ଓଡ଼ିଶା ମଧ୍ୟରେ ଇବ୍, ଓଙ୍ଗ୍ ତେଲ୍,ସୁରାବାଲୀ ଓ ସାଲୁଙ୍କି, ଆଦି ମହାନଦୀର ଅନେକ ଉପନଦୀ ରହିଛି । ମହାନଦୀର ଏଇଭଳି ଏକ ଉପନଦୀ ତେଲନଦୀ ସହ ଘଣ୍ଟାବାହାଳ ନିକଟରେ ମିଶିଅଛି ଉଦାନ୍ତି ନଦୀ ।
ଉଦନ୍ତି ଵା ଉଦନ୍ତୀ ନଦୀକୁ ଓଡ଼ିଶାର "free-flowing river" ଭାବେ ଅଭିହିତ କରାଯାଇଥାଏ । ଯେଉଁ ନଦୀଗୁଡ଼ିକ ମନୁଷ୍ୟକୃତ ପରିଵର୍ତ୍ତନ ହେତୁ ସେତେଟା ପ୍ରଭାଵିତ ହୋଇନଥାନ୍ତି ସେଗୁଡ଼ିକୁ "free-flowing river" କୁହାଯାଏ । ଛତିଶଗଡ଼ ଓ ଓଡ଼ିଶା ରାଜ୍ୟ ମଧ୍ୟରେ ଏ ନଦୀ ପ୍ରଵାହିତ ହେଉଅଛି ।
ଉଦନ୍ତୀ ନଦୀକୁ ନେଇ କଳାହାଣ୍ଡି ଅଞ୍ଚଳରେ ଏକ କିମ୍ବଦନ୍ତୀ ରହିଛି । ଏଠାକାର ଵନର ପୁଷ୍ପାଦି ଯୋଗୁଁ ସବୁଆଡେ ସୁବାସ ମହକି ଉଠୁଥିଲା । ସେହି ମହକରେ ଆକୃଷ୍ଟ ହୋଇ ସ୍ୱର୍ଗର ଇନ୍ଦ୍ର ଇନ୍ଦ୍ରାଣୀ ମର୍ତ୍ତ୍ଯକୁ ଓହ୍ଲାଇ ଏଠାରେ ଅନେକ ଦିନ ଵିହାର କରିଵାକୁ ଲାଗିଲେ । ସ୍ଥାନୀୟ ଜନଜାତୀୟ ଲୋକେ ସେମାନଙ୍କ ପାଇଁ ମାଟି ଝାଟିର ସୁନ୍ଦର ଘରଟିଏ ତିଆରି କରିଦେଲେ ।
ପାଖ ପାହାଡ ତଳେ ରହିଥିଲା ଆଉ ଗୋଟେ ଉପତ୍ୟକା । ଥରେ ଇନ୍ଦ୍ର ବୁଲୁ ବୁଲୁ ସେହି ଉପତ୍ୟକାରେ ପହଞ୍ଚିଲେ । ଉପତ୍ୟକାରେ ବସିଥିଲା ଫୁଲର ହାଟ । ଉଡି ବୁଲୁଥିଲେ ଅସଂଖ୍ୟ ପକ୍ଷୀ ଓ ପ୍ରଜାପତି । ସେମାନଙ୍କ ସହିତ ଘୁରି ବୁଲୁଥିଲା ଜଣେ ଅସାମାନ୍ୟ ସୁନ୍ଦରି ନାରୀଟିଏ ।
ନାମ ତାର ଉଦନ୍ତି । ତାର ସୈାନ୍ଦର୍ଯ୍ୟରେ ଆକର୍ଷିତ ହୋଇ ଇନ୍ଦ୍ର ତାକୁ ପ୍ରେମ ନିଵେଦନ କଲେ । ତହୁଁ ପ୍ରେମିକ ପ୍ରେମିକା ହୋଇ ସେମାନେ ଫୁଲ ବଗିଚାରେ ଘୁରି ବୁଲିଲେ । ଉଦନ୍ତିକୁ ପାଇ ଇନ୍ଦ୍ର ଭୁଲି ଗଲେ ଇନ୍ଦ୍ରାଣୀଙ୍କ କଥା । ଏଇମିତିରେ କଟିଗଲା ଅନେକ ଦିନ ।
ଏଣେ ଇନ୍ଦ୍ର ଦେବତାଙ୍କ ବାଟ ଚାହିଁ ଚାହିଁ ଇନ୍ଦ୍ରାଣୀ ଆଖିରେ ଲୁହ ଝରାଇଲେ । ଜନଜାତୀୟ ଲୋକମାନେ ଧାଇଁ ଯାଇ ଇନ୍ଦ୍ରଙ୍କର ଠାଵ ଠିକଣା ଉଣ୍ଡି ଆସିଲେ ।
ଉଦନ୍ତି—ଇନ୍ଦ୍ର ପ୍ରଣୟ କଥା ଜାଣି ଇନ୍ଦ୍ରାଣୀ ଦୁଃଖରେ ଭାଙ୍ଗି ପଡି଼ଲେ । ନଖାଇ ନପିଇ ବସି କାନ୍ଦିଲେ । ଆଦିବାସୀ ଲୋକମାନେ ତାଙ୍କୁ ଜଗି ବସିଲେ । ବଣରୁ ଫଳ ମୂଳ ଆଣି ଖାଇଵାକୁ ଦେଲେ ।
ଶେଷରେ ଦିନେ ଅସହ୍ଯ ହେଲାରୁ ଇନ୍ଦ୍ରାଣୀ ଅଭିଶାପ ଦେଲେ...
"ଇନ୍ଦ୍ର ଓ ଉଦନ୍ତି ବିହାର କରୁଥିଵା ସୁନ୍ଦର ଉପତ୍ୟକାରେ ମରୁଭୁମିର ଵିଭିଷିକା ସୃଷ୍ଟି ହେଵ, ଆଉ ଵର୍ଷା ହେଵ ନାହିଁ । ଇନ୍ଦ୍ର ଓ ଉଦନ୍ତି ହୋଇଯିବେ ଦୁଇଟି ସୁଖା ନଈ । ପରସ୍ପର ଵିପରୀତ ଦିଗରେ ଗତି କରିଵେ । କେବେ ମିଶି ପାରିଵେ ନାହିଁ ।"
ଅଭିଶାପ ଫଳିଲା । ଇନ୍ଦ୍ର ଓ ଉଦନ୍ତି ନଈ ଦୁଇଟି ଵିପରୀତ ଦିଗରେ ବହି ଚାଲିଲେ । ଏଣେ ଇନ୍ଦ୍ରାଣି ମଧ୍ୟ ଇନ୍ଦ୍ରାବତି ନଈ ହୋଇ ବହିଗଲେ, ଅନ୍ୟ ଦିଗକୁ ମୁହଁ କରି ।
ଆଜି ନୂଆପଡ଼ା ଜିଲ୍ଲାର କାର୍ଲାକୋଟ ନିକଟରେ ଯେଉଁ ତିଖାଲି ଡ୍ଯାମ୍ ରହିଛି ତାକୁ lower indra dam ବି କୁହାଯାଏ । ସେଇଠି ଇନ୍ଦ୍ର ନଦୀ ଓ ସୁନ୍ଦର ନଦୀ ମିଶିଛି ଏଵଂ ସେ ନଦୀ ସୁନ୍ଦର ନଦୀ ନାମ ବହି ତେଲ୍ ନଦୀରେ ଯାଇ ମିଶିଅଛି ।
କିମ୍ବଦନ୍ତୀ କୁହେ ଇନ୍ଦ୍ର ଓ ଉଦନ୍ତି ନଦୀ କେବେ ମିଶିପାରିଲେ ନାହିଁ ତେବେ ଉଦନ୍ତି ଓ ଇନ୍ଦ୍ର ଉଭୟ ନଦୀର ଜଳ କିନ୍ତୁ ତେଲ୍ ନଦୀରେ ମିଶିଥାଏ ।
ଏ ନଦୀର ନାମ ଉଦନ୍ତି କାହିଁକି ହେଲା ? ସମ୍ଭଵତଃ ଉଦନ୍ତି ନଦୀର ଗୁଣ ଯୋଗୁଁ ଏ ନଦୀର ଏଭଳି ନାମକରଣ ହୋଇଥାଇପାରେ ।
ଉଦନ୍ତ ଶବ୍ଦର ସ୍ତ୍ରୀଵାଚକ ରୂପ ଉଦନ୍ତି ଅଟେ ।
ଏକ ସଂସ୍କୃତ ଇଂରାଜୀ ଅଭିଧାନରେ ଉଦନ୍ତ ଶବ୍ଦର ଅନେକ ଅର୍ଥ ରହିଛି ଯଥା_
୧)flowing over (ଉଚ୍ଛୁଳିଵା)
୨)good(ଭଲ)
୩)virtuous(ଧାର୍ମିକ)
୪)eaching to the end or border
୫)excellent(ଅତି ଉତ୍ତମ)
୬)running over(କାହାକୁ ଛାଡି଼ ପଳାୟନ କରିଵା)
୭)end of the work(କାର୍ଯ୍ୟର ସମାପ୍ତି)
୮)news(ସମ୍ଵାଦ)
୯)one who gets a livelihood by a trade
ଵ୍ୟାପାର ଦ୍ଵାରା ଜୀଵିକାନିର୍ଵାହ କରୁଥିଵା ଵ୍ଯକ୍ତି
୧୦)rest(ଵିଶ୍ରାମ)
୧୧)intelligence(ବୁଦ୍ଧିମାନ)
୧୨)by sacrificing for others(ବଳିଦାନ)
୧୩)account(ଖାତା)
୧୪)harvest time(ଅମଳ ସମୟ)
୧୫)history(ଇତିହାସ)
୧୬)telling to the end(ଶେଷ ଯାଏଁ କହିଵା)
ଉଦନ୍ତି ନଦୀରେ ପ୍ରତିଵର୍ଷ ଵନ୍ଯା ହୋଇଥାଏ ଅର୍ଥାତ୍ ଏ ନଦୀର ଜଳ କୂଳ ଲଙ୍ଘନ କରେ ବୋଲି ଵନ୍ଯା ହୋଇଥାଏ ।
ଏଠାରେ ଉଦନ୍ତ ଶବ୍ଦର flowing over ଅର୍ଥଟି ପ୍ରକାଶ ପାଇଛି । ତେବେ ସବୁନଦୀରେ ଆଗେ ଵନ୍ଯା ହିଁ ହେଉଥିଲା ଏଥିରେ ନୂଆ କ'ଣ ରହିଗଲା ।
ସମ୍ଭଵତଃ ଉଦନ୍ତ ଶବ୍ଦର running over ଵା ଅନ୍ଯକୁ ଛାଡି଼ ପଳାୟନ କରିଵା ଅର୍ଥରେ ଉଦନ୍ତ ଶବ୍ଦର ସ୍ତ୍ରୀଵାଚକ ରୂପ ଉଦନ୍ତି କରି ଏ ନଦୀର ନାମ ରଖାଯାଇଅଛି । କିମ୍ବଦନ୍ତୀ ଅନୁସାରେ ଉଦନ୍ତି ନାମକ କନ୍ଯା ଓ ଇନ୍ଦ୍ରଙ୍କୁ ଇନ୍ଦ୍ରାଣୀ ଅଭିଶାପ ଦେଇଥିଲେ ଯେ ସେମାନେ କେବେ ମିଶିପାରିବେ ନାହିଁ । ସମ୍ଭଵତଃ ଇନ୍ଦ୍ରଙ୍କୁ ଛାଡ଼ି ଅନ୍ଯ ଏକ ଦିଗକୁ ପଳାୟନ କରି ନଦୀ ଭାବେ ପ୍ରଵାହିତ ହୋଇଥିଵା ହେତୁ ଏ ନଦୀର ନାମ ଉଦନ୍ତି ରଖାଯାଇଥିଲା ।
No comments:
Post a Comment