ଆମ ଉତ୍କଳୀୟ ପରମ୍ପରାରେ ନୂଆଁଖାଇ
~~~~~~~୦~~~~~~~~
ଚାଷୀ ପ୍ରଥମକରି ଅମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ ।ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ ।
ନୂଆଖାଇ ପାଳନ ନିମନ୍ତେ ଆଗରୁ "ଲଗନ" ବା "ତିଥି" ନିର୍ଣ୍ଣୟ କରାଯାଉଥିଲା । ଇଷ୍ଟଦେବୀଙ୍କ ନାମ ଅନୁସାରେ ପଣ୍ଡିତମାନେ ନବାନ୍ନ ଭକ୍ଷଣ ତିଥି ବାହାର କରୁଥିଲେ, ୧୯୯୧ ମସିହା ପର୍ଯ୍ୟନ୍ତ ନୂଆଖାଇ ପର୍ବ ପ୍ରତ୍ୟେକ ବର୍ଷ ଗୋଟିଏ ନିର୍ଦ୍ଦିଷ୍ଟ ତିଥିରେ ପାଳିତ ନ ହୋଇ ଭାଦ୍ରବ ଶୁକ୍ଳପକ୍ଷର ଯେକୌଣସି ଏକ ତିଥିରେ ପାଳିତ ହେଉଥିଲା ।
ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁପଟ୍ଟନାୟକ ସାରା ଓଡ଼ିଶାରେ ଗୋଟିଏ ଦିନରେ ନୂଆଖାଇ ପର୍ବ ପାଳନ କରାଯିବା ପାଇଁ ଘୋଷଣା କରି ସାରା ଓଡ଼ିଶା ସରକାରୀ ଛୁଟି କରିବା ପାଇଁ ମଧ୍ୟ ଘୋଷଣା କରିଥିଲେ । ଏହି ପଦକ୍ଷେପକୁ ପଶ୍ଚିମ ଓଡ଼ିଶାର ସବୁମହଲରେ ଚିନ୍ତାକରାଯାଇ ସର୍ବସମ୍ମତ କ୍ରମେ ଗଣେଶ ପୂଜାର ପରଦିନ ଅର୍ଥାତ ଋଷି ପଞ୍ଚମୀ ଦିନଟି ସ୍ଥିର କରାଗଲା । ସେହି ବର୍ଷଠାରୁ ପ୍ରତ୍ୟେକ ବର୍ଷ ପଶ୍ଚିମାଞ୍ଚଳରେ ଗୋଟିଏ ଦିନରେ ନୂଆଖାଇ ପର୍ବ ତିଥି ଅନୁସାରେ ପାଳିତ ହୋଇ ଆସୁଛି । କଳାହାଣ୍ଡି ଜିଲ୍ଲାର ଅନେକ ଅଞ୍ଚଳରେ ଏହା ଭାଦ୍ରବ ଶୁକ୍ଳ ଦଶମୀ ତିଥିରେ ପାଳନ କରାଯାଇଥାଏ ।
ପୂର୍ବାଞ୍ଚଳରେ ଏହା ଆଶ୍ୱିନ ମାସର ମହାଳୟା ତିଥି ଭିତରେ ସମ୍ପନ୍ନ ହେବାର ବିଧାନ ରହିଛି । କାରଣ ଏହି ନବାନ୍ନ ପିତୃପୁରୁଷଙ୍କ ପିଣ୍ଡଦାନରେ ବ୍ୟବହୃତ ହୋଇଥାଏ । ଓଡ଼ିଶାର ସାଂସ୍କୃତିକ ପରମ୍ପରାରେ ଅପରପକ୍ଷ (ମହାଳୟା) ପରଠାରୁ ଶ୍ରାଦ୍ଧ ଦେବାର ବ୍ୟବସ୍ଥା ଅଛି ।
ଏହା ସମଗ୍ର ଓଡ଼ିଶାରେ ବିଶେଷ କରି ଓଡ଼ିଶାର ପଶ୍ଚିମାଞ୍ଚଳ ଜିଲ୍ଲାସମୂହରେ ଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ । ଦେଶର ବିଭିନ୍ନ ଅଞ୍ଚଳରେ ତଥା ବିଦେଶରେ ରହୁଥିବା ପଶ୍ଚିମ ଓଡ଼ିଶାର ଲୋକ ନବାନ୍ନ ଦିନ ଘରେ ଉପସ୍ଥିତ ହେବାକୁ ଚେଷ୍ଟା କରିଥାନ୍ତି, ଯେଉଁମାନେ ନିଜ ଭିଟାମାଟିକୁ ଆସି ନ ପାରନ୍ତି, ସେମାନେ ନିଜେ ରହୁଥିବା ଜାଗାରେ ନୂଆଖାଇ ପାଳନ କରିଥାନ୍ତି ।
ନୂଆଭାବରେ ଅମଳ କରାଯାଇଥିବା ଷାଠିଆଧାନରୁ ପ୍ରସ୍ତୁତ ଅନ୍ନକୁ ରାନ୍ଧି ଭକ୍ଷଣ କରିଥାନ୍ତି । ନୂଆଧାନରୁ ପ୍ରସ୍ତୁତ ଚୁଡ଼ା, ଭାତ, କ୍ଷୀରି, ମଣ୍ଡାପିଠା ନିଜ ନିଜ ଘରେ ପ୍ରସ୍ତୁତ କରି ନିଜ ନିଜର ଇଷ୍ଟଦେବୀ, ଗ୍ରାମଦେବୀ (ମାଉଳୀ), ଦେବତା, ଆରାଧ୍ୟ ପାଖରେ ପ୍ରଥମେ ଅର୍ପଣ କରି ସମସ୍ତେ ଏକାଠି ବସି ଖାଇଥାନ୍ତି । ଖାଇସାରିବା ପରେ ଭେଟଘାଟ ପର୍ବ ଆରମ୍ଭ ହୁଏ । ପ୍ରଥମେ ଗ୍ରାମଦେବତୀଙ୍କ ପୀଠ ବା ଭାଗବତ ଟୁଙ୍ଗୀରେ ଏକାଠି ହୋଇ ମୁଣ୍ଡିଆ ମାରିସାରିବା ପରେ ସାନମାନେ ବଡ଼ମାନଙ୍କୁ ପ୍ରଣାମ ଜଣାଇ ଆଶୀର୍ବାଦ କାମନା କରିଥାନ୍ତି । ଭେଟଘାଟ ଶେଷ ହେବାପରେ ଗାଁରେ ଖେଳକୁଦ ପ୍ରତିଯୋଗିତା ହୋଇଥାଏ । ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ ।
ପଶ୍ଚିମଓଡିଶାକୁ ବାଦ୍ ଦେଲେ ଅନ୍ୟ ଅଞ୍ଚଳରେ କେବଳ ପୂଜାରେ ସୀମିତ ଏଇ ନୂଆଁଖାଇ ।
✍ ସନ୍ତୋଷ ପଟ୍ଟନାୟକ ,ଗଞ୍ଜାମ
No comments:
Post a Comment