Monday, June 14, 2021

● ରଜ ●

*ରଜ*"..........
      ଉତ୍କଳ ର ଗଣପର୍ବ । ଅର୍ଣ୍ଣଦାତ୍ରୀ ଙ୍କୁ ସମ୍ମାନ ପ୍ରଦାନ କରିବାର ଉତ୍ସବ ।
“ର’ ଅର୍ଥ ସଂସାର ଓ “ଜ’ ଅର୍ଥ ଯୋଚିବା ।
    ସନାତନ ଧର୍ମ ରେ କୌଣସି ନାରିର ଋତୁସ୍ରାବ ପ୍ରଥମ ତିନିଦିନ  ଯଥାକ୍ରମେ- ଚାଣ୍ଡାଳି, ବ୍ରହ୍ମଘାତିନୀ, ଓ ରଜକୀ ହୋଇଥାଏ  । ଚତୁର୍ଥ ଦିନରେ ଶୁଦ୍ରା ଓ ପଞ୍ଚମ ଦିନରେ ରମଣ ଯୋଗ୍ୟ ହୋଇଥାଏ  । ଭୂମି ଙ୍କୁ ଦେବୀ ରୂପେ ଗ୍ରହଣ କରାଯାଇଛି । ଏହା ହିଁ ରଜ ପର୍ବର ଶାସ୍ତ୍ରୀୟ ଆଧାର । 
 "ବନସ୍ତେ ଡାକିଲା ଗଜ........", ଓଡିଆ ଘର ର ଝିଅ ଭୂଆଷୁଣି ମାନଙ୍କର ରଜ ରେ ବହୁ ଚର୍ଚ୍ଚିତ ଲୋକ ଗୀତ । ଏହା ମୂଳ ରେ ନିହିତ ଅଛି ଜଗନ୍ନାଥୀ ପରମ୍ପରା । ସଂସାର ଏକ ବନସ୍ତ ବା ଜଙ୍ଗଲ, ଏଥିରେ ହସ୍ତି ସ୍ବୟଂ ନୀଳବ୍ରହ୍ମରାଶି ପରଂବ୍ରହ୍ମ ଶ୍ରୀଜଗନ୍ନାଥ । ରତ୍ନ ସଂହାସନ ର ଭୂଦେବୀ ରଜସ୍ଫଳା ହେବେ, ତିନି ଦିନ ପରେ ପ୍ରକୃତି-ପୁରୁଷଙ୍କର ମିଳନ ହେବ । ସତରେ କେଡେ ନିଆରା ଓ ମହାନ ଆମ ପ୍ରଥା , ପରମ୍ପରା । ମହାନ ଆମ ସଂସ୍କୃତି , ସଭ୍ୟତା । ପବିତ୍ର ଆମ ପର୍ବପର୍ବାଣି ।                        
   
               ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
   
            ଆଷାଢ ମାସ ଚତୁର୍ମାସ୍ୟା ବ୍ରତର ପ୍ରଥମ ମାସ । ଏ ଚାରି ମାସ ମୁନି ଋଷି ଓ ସାଧବମାନେ ସେମାନଙ୍କ ପରିଭ୍ରମଣ ତ୍ୟାଗ କରି ଏକସ୍ଥାନରେ ନିବିଷ୍ଟ ହୋଇ ସାଧନା କରିଥା'ନ୍ତି । ଏହି ମାସକୁ ଦାମ୍ପତ୍ୟ ଜୀବନର ସର୍ବଶ୍ରେଷ୍ଠ ସମ୍ଭୋଗର ମାସ ବୋଲି ଗ୍ରହଣ କରାଯାଏ । ବିରହ, ବିଧୂର ଯକ୍ଷର ପ୍ରିୟା ଉଦ୍ଦେଶ୍ୟରେ ମେଘ ମାଧ୍ୟମରେ ପ୍ରେରିତ ବାର୍ତ୍ତାକୁ ନେଇ ମହାକବି କାଳିଦାସଙ୍କ ରଚିତ "ମେଘଦୂତ' ମହାକାବ୍ୟ ଏକ ଅନବଦ୍ୟ ସାଂସ୍କୃତିକ ବୌଦ୍ଧିକ ପ୍ରତିଲିିପି ଓ ଇତିକଥା । ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା' ହୁଏ ରଜସ୍ୱଳା । କୃଷିପ୍ରଧାନ ଦେଶ ଭାବେ ଖ୍ୟାତି ଲାଭ କରିଥିବା ଆମଦେଶରେ ମାଟି ମା' ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମା'ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା'କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ବିଶ୍ୱାସ ଅଛି । ପହିଲି ରଜରେ ଆରମ୍ଭ ହୁଏ ପ୍ରସ୍ତୁତି ପର୍ବ । ତିନିଦିନ ଧରି ଧରଣୀ ମାତାକୁ ବିଶ୍ରାମ ଦିଆଯାଏ, ଯେଉଁଥିପାଇଁ ଭୂ-ଖନନ ବାରଣ କରାଯାଇଥାଏ । ମାତୃଜାତି ମଧ୍ୟରେ ଉତ୍ସାହ, ଉନ୍ମାଦନା ଓ ନୂତନ ଶକ୍ତି ଜାଗ୍ରତ କରିବା ପାଇଁ ପାଳନ କରାଯାଇଥାଏ ରଜପର୍ବ । କୁମାରୀମାନଙ୍କ ପାଇଁ ରଜପର୍ବ ହେଉଛି ତାଲିମ ପ୍ରଦାନକାରୀ ପର୍ବ । ଆଷାଢ଼ର ପହିଲି ବର୍ଷାରେ ମାଟି ମା'ର ପ୍ରଜନନ ଶକ୍ତି ଜାଗ୍ରତ ହୋଇଥାଏ, ଏହି କାରଣରୁ ଧରଣୀମାତାକୁ ରଜସ୍ୱଳା ସ୍ତ୍ରୀ ସହିତ ତୁଳନା କରାଯାଏ । ଅବିବାହିତା ଝିଅଙ୍କ ପାଇଁ ଗର୍ଭଧାରଣ କ୍ଷମତା ପ୍ରାପ୍ତିର ଏକ ସାଙ୍କେତିକ ପର୍ବ ହେଉଛି ରଜ । ଜଣେ ନାରୀଭାବେ ଆଗାମୀ ଦିନରେ କିପରି କର୍ତ୍ତବ୍ୟ ସମ୍ପାଦନ କରିବାକୁ ହେବ, ତାହା କୁମାରୀ ମାନଙ୍କୁ ଶିଖିବାକୁ ପଡ଼ିଥାଏ, ଏହି ରଜ ପର୍ବ ପାଳନ ଅବସରରେ । କୁମାରୀମାନେ ରଜପର୍ବର ମଉଜ ଭିତରେ ଜଣେ ନାରୀର ଚଳଣି, ଆଚାରସଂହିତାକୁ ବିଧିଭାବେ ପାଳିଥାଆନ୍ତି ଏବଂ ଭବିଷ୍ୟତରେ ଯେତେବେଳେ ଝିଅଟିଏ ନାରୀଭୂମିକାରେ ଅବତୀର୍ଣ୍ଣ ହୋଇ କର୍ତ୍ତବ୍ୟ ସମ୍ପାଦନ କରେ, ଏହି ଆଚାରସଂହିତା ତାକୁ ସହାୟ ହୋଇଥାଏ । ରଜ ତିନିଦିନ ଧରି ରଜସ୍ୱଳା ନାରୀଭାବେ ଧରଣୀମାତାକୁ କଷ୍ଟ ନ ଦେଇ ଭୂମି କର୍ଷଣ ନ କରି ବିଶ୍ରାମ ଦେଲାଭଳି କଟା, ବଟା ଆଦି ଗୃହକର୍ମ ନ କରି କୁମାରୀମାନେ ବିଶ୍ରାମ କରନ୍ତି । ଧରଣୀ ମାତା ଶସ୍ୟଶ୍ୟାମଳାପୂର୍ଣ୍ଣ ହେବା ପାଇଁ ପ୍ରାଥମିକ ପ୍ରସ୍ତୁତି ଭାବେ ରଜ ତିନିଦିନ ବିଶ୍ରାମ ମିଳିଥାଏ ତାଙ୍କୁ । ଠିକ ସେହିପରି ଝିଅବୋହୂମାନଙ୍କ ଭବିଷ୍ୟତ ସାଂସାରିକ ଜୀବନ ସୁଖମୟ କରିବାକୁ ରଜପର୍ବର କଳ୍ପନା କରାଯାଇଛି । ରଜପର୍ବର ବିଧିବିଧାନକୁ ସେମାନେ ନିଜେ ପାଳନ କରି ଜଣେ ମାତାର କର୍ତ୍ତବ୍ୟକୁ ସୁଚାରୁରୂପେ ତୁଲାଇପାରିବେ ଏବଂ ଭବିଷ୍ୟତରେ ନିଜ ଝିଅମାନଙ୍କୁ ସ୍ୱଅନୁଭୂତିରୁ ଶିଖି ସଂସାର ନିୟମ ଶିଖାଇବେ ।
            ପରମ୍ପରା ଅନୁସାରେ ଏହି ଦିନ ଭୂମି ଉପରେ ଖାଲିପାଦରେ ଚାଲିବାକୁ ମନା କରାଯାଇଥାଏ । କୁମାରୀମାନେ ଖାଲି ପାଦରେ ଚାଲନ୍ତି ନାହିଁ, ଅଧିକାଂଶ ସମୟ ଦୋଳିରେ ଝୁଲନ୍ତି ଏବଂ ଗୁଆ ଖୋଳପା କିମ୍ବା ଚପଲ ପିନ୍ଧି ଚଳପ୍ରଚଳ ହୁଅନ୍ତି ।

          ବସୁମତୀ ସ୍ନାନ ହେଉଛି ରଜ ପର୍ବର ଅନ୍ତିମ ଦିବସ । ଏହା ବସୁଧାମାତାଙ୍କ ଶୁଦ୍ଧ ସ୍ନାନ । ଏହା ଧରାସ୍ନାନ, ମହାଲକ୍ଷ୍ମୀ ସ୍ନାନ, ମହାଲକ୍ଷ୍ମୀ ଗାଧୁଆ ଓ ଶୁଦ୍ଧ ସ୍ନାନ ରୂପେ ପ୍ରଖ୍ୟାତ । ବଡ଼ି ସକାଳୁ ଶିଳପୁଆରେ ହଳଦୀ କନା ଗୁଡ଼ାଇ ସିନ୍ଦୂର, କଜଳ ଦେଇ ଧରଣୀ ମାତାଙ୍କ ସ୍ୱରୂକୁ ସଜାଇ ପିଢ଼ା ଉପରେ ସ୍ଥାପନା କରି କଳସ ଆମ୍ବଡ଼ାଳ ରଖି କ୍ଷୀର ଦେଇ ସ୍ନାନ କରାଯାଏ । ମାସିକ ଧର୍ମର ବିଧି ଅନୁଯାୟୀ ଧରଣୀ ମାତା ତିନିଦିନ ବିଶ୍ରାମ ପରେ ସ୍ନାନ କରି ଶୁଦ୍ଧ ପବିତ୍ର ହୋଇଥା’ନ୍ତି । 
          
              ମାର୍ଗଶୀର ଶେଷ ଗୁରୁବାରଦିନ ବନ୍ଦ ହୋଇଥିବା ମହାଲକ୍ଷ୍ମୀ ପେଡ଼ି ଏହି ଦିନ ଖୋଲାଯାଇଥାଏ । ରଜସ୍ୱଳାନାରୀ ସଦୃଶ ତିନିଦିନ ଅସ୍ପୃଶ୍ୟ ହୋଇ ରହିବାପରେ ଚତୁର୍ଥ ଦିନ ପ୍ରାତଃ କାଳରେ ଏହି ଶୁଦ୍ଧ ସ୍ନାନ ପର୍ବ । ଏହି ଦିନ ରଜପର୍ବର ଆନନ୍ଦ ଉଲ୍ଲାସ ମଉଳି ଯାଇ ଆଧ୍ୟାତ୍ମିକତା ସ୍ଥାନ ନେଇଥାଏ । ଏହି ବସୁମତୀ ସ୍ନାନ ଦିବସରେ ଧରଣୀ ମାତା ପ୍ରତି ଭକ୍ତିଭାବ ଜାଗ୍ରତ ହୋଇଥାଏ । ବସୁମାତା ରଜସ୍ୱଳା ହୋଇ ଶୁଦ୍ଧସ୍ନାନ ପରେ ସୃଜନ କ୍ଷମତାଶୀଳା ଅର୍ଥାତ ଶସ୍ୟ ବୀଜ ଧାରଣକାରିଣୀ ହୋଇପାରିଥାନ୍ତି ।
           
          ଏହି ପର୍ବରେ ବୋଲାଯାଉଥିବା ଜଣାଶୁଣା ଗୀତ ଯାହା ଆଗେ ଗାଆଁ ଗହଳିରେ ଜନ୍ମ ନେଇଥିଲା ଏବଂ ଲୋକ ମୁଖରେ ବୋଲାଯାଉଥିଲା ପୁରୁଷ ପୁରୁଷ ଧରି ଓ ଧିରେ ଧିରେ ତାହା ଓଡ଼ିଆ ସାହିତ୍ୟ ଭିତରକୁ ଆସିଲା ।
          
“ବନସ୍ତେ ଡାକିଲା ଗଜ,
ବରଷକେ ଥରେ ଆସିଛି ରଜ,
ଆସିଛି ରଜ ଲୋ
ଘେନି ନୂଆ ସଜବାଜ ॥

ରଜ ଦୋଳି କଟ କଟ,
ମୋ ଭାଇ ମଥାରେ ସୁନା-ମୁକୁଟ,
ସୁନା ମୁକୁଟ ଲୋ
ଦିଶୁଥାଏ ଝଟମଟ ॥

       ଝିଅ ମାନଙ୍କର ଖୁବ୍ ମନୋଖୋଲା ଗୀତ ଏହି ପର୍ବରେ ବେଶ ରୁଚିପୂର୍ଣ୍ଣ  । ସେହି ଗୀତରୁ କିଛି   
         ରଜଦୋଳି ଗୀତ :

ବନସ୍ତେ ଡାକିଲା ଗଜ, 
ବରଷକେ ଥରେ ଆସିଛି ରଜ ଲୋ,
      ଘେନି ନୂଆ ସଜବାଜ ।
ରାଶିରୁ ଛାଡ଼ିଲା ଚୋପା,
 ଗୋଡ଼ରେ ନାଇଛୁ ସରୁ ଅଳତା ଲୋ, 
    ମଥାରେ ସିନ୍ଦୂର ଟୋପା ।
ଉଡ଼ିଲା ଶୁଆ ନାହାକା, 
ଦୋଳିଟା କାହିଁକି ଲାଗୁଛି ଏକା ଲୋ, 
     କାହା ବିନା ଏକା ଏକା ।
ପାଚିଲା ବଇଁଚ କୋଳି, 
   ବେକରେ ନାଇଚି ଗଜରା ମାଳି ଲୋ, 
        ଝୁଲାଅ ରଜର ଦୋଳି ।
ପଣସ ପାଚିଲା ବନେ, 
ବନ ପୋଡ଼ିଗଲେ ଦୁନିଆ ଜାଣେ ଲୋ, 
     ମନକଥା କିଏ ଜାଣେ ।
ଶଙ୍ଖ ମଲମଲ ଗିନା, 
  ଦରଦ ଜାଣେଲୋ ଦରଦୀ ସିନା ଲୋ, 
     ବଣିଆ ଚିହ୍ନେଟି ସୁନା ।
ନିମ୍ବର ବୁକେ ଚନ୍ଦନ, 
ଦେବତା ଗଢ଼ାଇଲା ନାରୀ ଜୀବନ ଲୋ, 
    ଦେଲା ତହିଁ ଯଉବନ ।
ଢମଣା ଛାଡ଼ିଲା କାତି, 
ପୁରୁଷ ସିନାଲୋ ଭ୍ରମର ଜାତି ଲୋ,
     ନୂଆ ଖୋଜୁଥାନ୍ତି ନିତି ।
ଚାନ୍ଦରେ କଳଙ୍କ ଚିହ୍ନ, 
   ନବ ଯଉବନି କିଆଁ ଗୁମାନ ଲୋ, 
      ଆସିଲେଣି ଜୀବ ଧନ ।
ପୋଖରୀ ତୁଠ ପଥର, 
ତତେ ଦେଖିଥିଲି ବାଲି ବନ୍ଧରେ ଲୋ,
     ଆଖି ଥିଲା ଏଣେ ତୋର ।
ସାହାଡ଼ା ଗଛର ଛାଇ, 
ସେଦିନ କଥାକି ତୋ ମନେ ନାଇଁ ଲୋ, 
     ଏତେ ଆନମନା କାହିଁପାଇଁ ।
ଖୋସାରେ ଖୋସିଲି ଫୁଲ, 
କେତେ ଦେଖାଉଛୁ ନୁଖୁରା ଗେଲରେ, 
      ଭାଙ୍ଗି ଦେବି ତୋର ଗାଲ ।
ନଈର ଶୁଖିଲା ବାଲି,
 କେତେ ଫୁଲି ହେଉ ପୁଚୁକିଗାଲି ଲୋ, 
      ଦେଖାଉଛୁ କେତେ ବେଲି ।
ବାଜିଲା ତେଲିଙ୍ଗି ବାଜା, 
ରସିକ ଯେ ଜାଣେ ସ୍ନେହର ମଜା ରେ, 
      ସେ ସିନା ମୋ'ମନ ରଜା ।
ଲୁଚିଗଲା ମେଘେ ଚାନ୍ଦ, 
ଦୋଳି କଟକଟ କରେ ଶବଦ ଲୋ, 
     ବହନ୍ତେ ପବନ ମନ୍ଦ ।
ଦୋଳି ହୁଏ ରଟରଟ, 
ମୋ ଭାଇ ମୁଣ୍ଡରେ ସୁନା ମୁକୁଟ ଲୋ, 
      ଦିଶୁଥାଏ ଝଟଝଟ ।
ପରବତେ ଜଳେ ନିଆଁ, 
ପହଞ୍ଚାଇ ଦୋଳି ତେଣେ ନ ଚାହାଁ ଲୋ,
     ପୁଣି ହେବ ବାଆଁ ଡାଁ ।
ଉତୁରି ପଡ଼ିଲା ଦୁଧ, 
ଉଙ୍କି ମାରି ମାରି ଅନାଉ ଥାଏ ଲୋ,
      ନନ୍ଦର ଉଦିଆ ଚାନ୍ଦ ।
ଛତରା ବଜାର ହାଟ, 
ଛକି ବସିଥିବ ଚଗଲା କାହ୍ନୁଲୋ,
     ଛନ୍ଦରେ ମାଗିବ ଘାଟ ।
ଥୋଡ଼ମଞ୍ଜା କଲି ରାଇ, 
କଣ ନ କଲେ କଳା କହ୍ନାଇ ଲୋ, 
      ମୁହଁକୁ ଯା ନ ଅନାଇ ।
କରମଙ୍ଗା କଲି ରାଇ, 
ମଥୁରାକୁ ଗଲେ କଳା କହ୍ନାଇ ଲୋ, 
    କଣ୍ଟ ଦେଇ ଗଲେ କାହିଁ ।
ସାଉଁଟିଲି ବିଲ ଘଷି, 
କିମ୍ପାଇଁ ରାଧିକା ବସିଲା ରୁଷି ଲୋ, 
   ଫୁଲ ଶେଜ ହେଲା ବାସି ।
କଟକଟ ହୁଏ ଦୋଳି, 
ଭାଉଜଙ୍କ ମନ ଯାଇଛି ଜଳି ଲୋ, 
    ଭାଇ ବିଦେଶୁ ନଇଁଲେ ବୋଲି ।
ଗରଜେ କଳା ବଉଦ, 
ମୋତେ ତ ବରଷ ହେଲା ଚଉଦ ଲୋ, 
     ଗଲାଣି ପିଲା ସୁଆଦ ।
ବଇଁଶୀ ବାଜିଲା କୁଞ୍ଜେ, 
ବଡ଼କଥା ବଡ଼ ଲୋକଙ୍କୁ ସାଜେ ଲୋ,
    ଛୋଟ କଲେ ଛାଟ ବାଜେ ।
ଲାଞ୍ଜ ଟେକିଗଲା ବାଘ, 
ନଇଁ ଚାଲୁଥିବ ବଡ଼ଙ୍କ ଆଗେ ଲୋ,
     ଲାଗିବ ନାହିଁଟି ଦାଗ ।
ଛତୁ ଫୁଟେ ବରଷାରେ, 
ଛତରାଟା କେତେ ଛଇ ଦେଖାଉ ରେ,
     ଅଛି କି ତୋ ଭରଷାରେ ।
କରଡ଼ି ଖସିଲା ଆମ୍ବ, 
ପର କାହୁଁ ଘର ପରାଣୀ ହେବେ ରେ, 
    ମନ ଜାଣି ଖଞ୍ଜି ଦେବ ।
ବିରାଡ଼ି ଛିଙ୍କିଲା ବଣେ, 
 ଆଗରେ ଯାଉଛି ନାଗର ଜଣେ ଲୋ, 
      ମୁଣ୍ଡି ଝାଡୁ ଖାଲି ପଣେ ।
ଅଦିନେ ପଣସ ସିଠା, 
ବଚନରେ ଯାର ନଥଏ ମିଠା ଲୋ, 
    ସେଟା ବାଡ଼ ପକା କଣ୍ଟା ।
ପାହାନ୍ତି ରାବିଲେ ପେଚା, 
ଯିଏ ହୋଇଥିବ ସିଂହର ବଚା ଲୋ, 
       ନ ଦେବ ପଛଘୁଞ୍ଚା ।
ମଇଁଷି ଶିଙ୍ଗରେ ଖସା, 
ମଉସା ପୁଆଟା ଏଡ଼େ ସହସା ଲୋ,
      ମତେ କଲା ଲୋକହସା ।
ଜାରା ମାରିଦେଲା ବାଣ , 
ଯାହାଠାରେ ଯାର ମିଶିଛି ମନ ଲୋ, 
    ସେହି ଜାଣେ ତାର ଗୁଣ ।
କାଟି ଗଲି କଳା ଦୁବ, 
ଝିଅ ଜନମରେ ଏତିକି ଲାଭ ଲୋ, 
     ବନ୍ଧୁ ଘର ଅରଜିବ ।
କାଳୀଗାଇ ଦୁଧ କ୍ଷୀରି, 
ନୂଆ ପୀରତିରେ ମଉଜ ଭାରି ଗୋ, 
    ପୁରୁଣାଟି ନିମ୍ବ ପରି ।
ଆମ୍ବ ପତ୍ର ଗହଳିଆ,
 ପ୍ରୀତି ପଙ୍କେ ତୁହି ହେବୁ ଗୋଳିଆ ଲୋ, 
    ତୋଫା ହେବଟି ଧୁଳିଆ ।
ଥିରି ଥିରି ଚାଲେ ହାତୀ,
 ଥୟ ନ ହେଉଛି କିମ୍ପା ଏ ଛାତି ଲୋ,
     ଥକା ଦୋଳି ହେଲା ରାତି ।

            ରଜରେ ପିଠାପଣା ବ୍ୟତୀତ  ପାନଖିଆ ଏକ ପୁରୁଣା ଓଡ଼ିଆ ପରମ୍ପରା । ପ୍ରୀତିର ବନ୍ଧନ ହେଉଛି ପାନ । ପ୍ରୀତି, ପ୍ରେମ, ବନ୍ଧୁତାର ଛ'ଲକ୍ଷଣ ଏ ଦେଶରେ ନିର୍ଦ୍ଧାରିତ କରାଯାଇଛି । ଦିଏ, ନିଏ, ଖାଏ, ଖୁଆଏ, ଗୋପନ କଥା କହେ ଓ ପଚାରେ, ଏ ଛ'ଟି ଆନ୍ତରିକତା ଓ ନିବିଡ଼ତାର କଥା । ଭୋଜନ ଶେଷରେ ତାମ୍ବୁଳ ସେବା ଏକ ପ୍ରାଣମୟ ବ୍ୟବସ୍ଥା । ଓଡ଼ିଆଙ୍କ ଠାକୁର ବଡ଼ଠାକୁର ଜଗନ୍ନାଥ ପ୍ରତିଦିନ ଭୋଜନାନ୍ତେ ତାମ୍ବୁଳ ସେବା କରି ନିଦ୍ରା ଯାଆନ୍ତି । ପାନ ହେଉଛି ମୁଖବାସ, ପରିତୋଷ । ରଜ ସହିତ ପାନ ଯୋଡ଼ିହେବା ପଛରେ କଥା ଅଛି, ଏଡା ବନ୍ଧୁତାର ଡେ଼ାରିକୁ ସୁଦୃଢ କରିବ । ରଜରେ ଝିଅମାନେ ସମସ୍ତଙ୍କୁ ପାନ ଦବାନବା କରିଥାନ୍ତି । ଆୟୁର୍ବେଦ ଶାସ୍ତ୍ର ଅନୁସାରେ ପାନ ଜୀର୍ଣ୍ଣକାରକ ଏବଂ କୃମିନାଶକ । ପାନରେ ଦିଆଯାଉଥିବା ଚୂନ ଲୌହଶକ୍ତି ପୂର୍ଣ୍ଣ (କ୍ୟାଲସିଅମ) ଓ ଖଇର ଦାନ୍ତକୁ ମଜଭୁତ କରିଥାଏ । ପାନ ଖାଇଲା ବେଳେ ପତ୍ରରୁ ଶିରା ଛେଦନ କରାଯାଇଥାଏ କାରଣ ପାନଶିରା ହେଉଛି ବୁଦ୍ଧି ବିନାଶିନୀ । ରଜପାନର ଚମକ ଓ ମହକ ସାରାବର୍ଷର ପାନକୁ ବଳିଯାଏ, ରଜ ଆଭୂଷଣକୁ ଆହୁରି ମୁଗ୍ଧକର କରିଦିଏ । ରଜପାନରେ ଗୁଆ, ଅଳେଇଚ, ଗୁଜୁରାତି, ଭଜା ଧଣିଆ, ଚାଉଳ ଓ ନଡିଆ ଖଣ୍ଡ, ଚେରି, ଲବଙ୍ଗ, କବାବଚିନି, ଚୁଆ, ପାନ ମହୁରି, ସୁବାସିତ ଜାଫ୍ରାନ କେଶର, ଖଇର ପରି ୧୦ରୁ ୧୨ ପ୍ରକାର ମସଲା ବ୍ୟବହୃତ ହୁଏ । ଏହାକୁ ବିଭିନ୍ନ ଢଙ୍ଗରେ ତ୍ରିଭଙ୍ଗି, ଚଉଭଙ୍ଗି ଆକୃତି ଦେଇ ଉପରେ ଲବଙ୍ଗ ଖୋସି ଅତି ସୁନ୍ଦର ଭାବେ ଥାଳିରେ ସଜାଇ ଦିଆଯାଏ । ସାଧାରଣ ଦିନର ପାନଠାରୁ ରଜପାନର ସ୍ୱାଦ ସ୍ୱତନ୍ତ୍ର ।

         ଓଡ଼ିଆଙ୍କ  ପର୍ବପର୍ବାଣୀ ଖୁବ୍ ନିଆରା ଏଥିରେ ସ୍ନେହ ବନ୍ଧନ ସହ ପ୍ରକୃତି ତଥା ଓଡ଼ିଆଙ୍କ ଭକ୍ତି, କଳାନିପୁଣତା ସ୍ପଷ୍ଟ ବାରିହୋଇପଡେ । 
      
   ✍ ସନ୍ତୋଷ ପଟ୍ଟନାୟକ , ଗଞ୍ଜାମ ।

No comments:

Post a Comment

ଦେଶ ନାସ୍ତି ମହୀତଳେ

ଦେଶ ନାସ୍ତି ମହୀତଳେ ତୁଙ୍ଗ-ଶିଖରୀ, କୁଞ୍ଜ-କାନନ, ପୁଣ୍ୟ-ଜଳଧି ର ତ୍ରିବେଣୀ ସଂଗମ ଆମ ଉତ୍କଳ l ପୂତ ପୟୋନିଧି ର ପବିତ୍ର ଜଳ ସ୍ପର୍ସ ରେ ପ୍ରତିଧୂଳି କଣା...