~: ରଥଯାତ୍ରା :~
ରଥଯାତ୍ରା ଜଗନ୍ନାଥଙ୍କର ଏକ ପ୍ରମୁଖ ବାର୍ଷିକ ଉତ୍ସବ ଯାହାକି ପୁରୀଠାରେ ଜଗନ୍ନାଥ ମନ୍ଦିରରେ ତଥା ବିଶ୍ଵର ବାକି ଅନେକ ସ୍ଥାନରେ ପାଳନ କରାଯାଏ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ଵାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଦକ୍ଷିଣାମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ ।
ଜଗନ୍ନାଥ, ବଳଭଦ୍ର, ସୁଭଦ୍ରା ଓ ସୁଦର୍ଶନ ତିନିଗୋଟି ରଥରେ ପୁଷ୍ୟାନକ୍ଷତ୍ରଯୁକ୍ତ ଆଷାଢ଼ ଶୁକ୍ଳ ଦ୍ଵିତୀୟା ତିଥିରେ ବିଜେ କରି ଗୁଣ୍ଡିଚା ମନ୍ଦିରକୁ ଯାଇ ସେଠାରେ ସପ୍ତାହକାଳ ଅବସ୍ଥାନ କରି ଦଶମୀ ଦିନ ସେଠାରୁ ବଡ଼ଦେଉଳକୁ ଫେରିଆସିଥାନ୍ତି । ଗୁଣ୍ଡିଚା ମନ୍ଦିରକୁ ମାଉସୀ ମା ମନ୍ଦିର ନାମରେ ମଧ୍ୟ ଗଣାଯାଏ । ଗୁଣ୍ଡିଚା ମନ୍ଦିରକୁ ଯିବା ଦିନକୁ “ରଥଯାତ୍ରା” ବା “ଗୁଣ୍ଡିଚା ଯାତ” ଓ ଫେରିବା ଦିନକୁ “ବାହୁଡ଼ା ଯାତ୍ରା ବା ବାହୁଡ଼ା ଯାତ” ବୋଲି କୁହାଯାଏ । ପରମ୍ପରା ଅନୁସାରେ ଘୋଷଯାତ୍ରାର ଆଗେ ଆଗେ ବଡ଼ଭାଇ ବଳଭଦ୍ରଙ୍କ ରଥ ‘ତାଳଧ୍ଵଜ’, ତାଙ୍କ ପଛେ ପଛେ ଦେବୀ ସୁଭଦ୍ରାଙ୍କ ‘ଦର୍ପଦଳନ’ ଓ ସର୍ବଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ‘ନନ୍ଦିଘୋଷ’ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରନ୍ତି ।
ରଥଯାତ୍ରାର ଆଠଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ ।
●ସ୍ନାନଉତ୍ସବ ,ଅନବସର,ନେତ୍ରୋତ୍ସବ,ଶ୍ରୀଗୁଣ୍ଡିଚା,ହେରାପଞ୍ଚମୀ,ଆଡ଼ପ ପର୍ବ,ବାହୁଡ଼ାଯାତ୍ରା ଓ ନୀଳାଦ୍ରିବିଜେ ।
ପରମ୍ପରା ଅନୁସାରେ ପୁରୀରେ ପ୍ରତିବର୍ଷ ସମ୍ପୁର୍ଣ୍ଣ ଭାବେ ନୂଆ କାଠରେ ରଥ ତିଆରି ହୋଇଥାଏ । କିନ୍ତୁ ସାରଥି, ଘୋଡ଼ା, ପାର୍ଶ୍ଵ ଦେବଦେବୀ, ସଖୀ ଆଦିମୂର୍ତ୍ତି ଗୁଡ଼ିକ ପ୍ରତ୍ୟେକ ନବକଳେବର ବର୍ଷ ନୂତନ ଭାବରେ ନିର୍ମାଣ କରାଯାଇଥାଏ । ନିମ୍ବ କାଠରେ ମୋଟ ୨୭ ଗୋଟି ପାର୍ଶ୍ଵ ଦେବଦେବୀଙ୍କର ବିଗ୍ରହ ନିର୍ମାଣ କରାଯାଏ । ପ୍ରତିବର୍ଷ ରଥଯାତ୍ରାର ଅଳ୍ପ ଦିନ ପୂର୍ବରୁ ଚିତ୍ରକାର ସେବକମାନେ ଏହି ମୂର୍ତ୍ତିଗୁଡିକୁ ରଙ୍ଗ କରିଥାନ୍ତି । ଆବଶ୍ୟକ ପଡିଲେ ରୂପକାର ସେବକମାନଙ୍କ ଦ୍ଵାରା ଏହାର ମରାମତି କାର୍ଯ୍ୟ ହୋଇଥାଏ । ରଥଯାତ୍ରାର ଦୁଇ ଦିନ ପୂର୍ବରୁ ପ୍ରତି ରଥରେ ନଅ ମୂର୍ତ୍ତି ଲେଖାଏଁ ପାର୍ଶ୍ଵଦେବତାଙ୍କୁ ଅଧିଷ୍ଠିତ କରାଯାଇଥାଏ। । ପ୍ରତିବର୍ଷ ରଥଯାତ୍ରା ପରେ ରଥଗୁଡ଼ିକୁ ଭାଙ୍ଗି ଦିଆଯାଏ । ପ୍ରତିବର୍ଷ ପୁରୀ ବଡ଼ଦାଣ୍ଡରେ ଥିବା ଶ୍ରୀନଅର ସମ୍ମୁଖସ୍ତ ରଥଖଳାଠାରେ ଶ୍ରୀଜଗନ୍ନାଥଙ୍କର ଏହି ବିଶ୍ୱବିଦିତ ରଥଯାତ୍ରା ନିମନ୍ତେ ତିନିରଥର ନିର୍ମାଣ କାର୍ଯ୍ୟ ସଂପନ୍ନ ହୋଇଥାଏ । ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ପାରମ୍ପରିକ ବିଧି ଓ ରଥନିର୍ମାଣର ଶାସ୍ତ୍ରସମ୍ମତ ଧାରାକୁ ଲକ୍ଷ୍ୟ କଲେ ବ୍ୟାପାରଟି କେତେ ଜଟିଳ ଅଥଚ କେତେ ସୁସମନ୍ୱିତ ତାହା ହୃଦ୍ବୋଧ ହୁଏ । ବହୁ ପୁରାତନ କାଳରୁ ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ପାଇଁ ସମୟ ନିର୍ଦ୍ଧାରିତ ହୋଇଛି, ତଦନୁସାରେ ସମସ୍ତ କାର୍ଯ୍ୟ ସୁସଂପନ୍ନ ହୋଇଥାଏ । ରଥକାଠ ପହଞ୍ଚିବା ଠାରୁ ଆରମ୍ଭ କରି ରଥଟଣା ପର୍ଯ୍ୟନ୍ତ ସବୁ କାର୍ଯ୍ୟ ଏକ ନିର୍ଦ୍ଦିଷ୍ଟ ତିଥିରେ ହୋଇଥାଏ।
●ରଥକାଠ ପୁରୀରେ ପହଞ୍ଚିବା (ରଥଖଳରେ ଅନୁକୂଳ ପୂଜା) – ଶ୍ରୀପଞ୍ଚମୀ
●କାଠଚିରା – ଶ୍ରୀରାମ ନବମୀ
●ରଥନିର୍ମାଣ ଅନୁକୂଳ – ଅକ୍ଷୟ ତୃତୀୟା
●ଗୁଜ ଅନୁକୂଳ – ନୃସିଂହ ଚତୁର୍ଦ୍ଦଶୀ
●ଚକ ତିଆରି ହୋଇ ଦିଅଁଙ୍କ ଆଜ୍ଞାମାଳ ଲାଗି (ଅନ୍ତତଃ ୬ଟି ଚକ) – ଭଉଁରୀ ଦିନ
●ଚାରି ନାହକ ଡେରା ଅନୁକୂଳ – ଦେବସ୍ନାନ ପୂର୍ଣ୍ଣିମା
●ରଥଖଳାରୁ ସିଂହଦ୍ଵାର ଯାଏଁ ରଥଟଣା – ନେତ୍ରୋତ୍ସବ (ଶ୍ରୀଗୁଣ୍ଡିଚା ପୂର୍ବଦିନ)
ଏହି ରଥ ନିର୍ମାଣର ପରମ୍ପରା ବଡ଼ ନିଆରା, ପ୍ରଥମେ ବଡ଼ଠାକୁରଙ୍କ ରଥ କାମ ଆରମ୍ଭ କରାଯାଉଥିବା ବେଳେ ପ୍ରଥମେ ଦେବୀ ରଥର ଚକ ନିର୍ମାଣ ହୁଏ । ରଥର ଚକ ଫାସୀ କାଠରେ ନିର୍ମାଣ ହୋଇଥାଏ । ପରମ୍ପରା ଦୃଷ୍ଟିରୁ ଦେବୀରଥର ଚକ ସବୁଠାରୁ ବଡ଼ (୧୨ ଟି ଚକ ମଧ୍ୟରୁ ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୮ ଇଞ୍ଚ) ।
ରଥମାନଙ୍କର ନିର୍ମାଣରେ କିଛି ବିଶେଷତା ପରିଲିକ୍ଷିତ ହୁଏ ଯଥା ;
● ‘ନନ୍ଦିଘୋଷ’ ବା ‘ଗରୁଡ଼ଧ୍ଵଜ’ ବା ‘କପିଳଧ୍ଵଜ’ ରଥରେ ଜଗନ୍ନାଥଙ୍କ ସହ ମଦନମୋହନ ବିଜେ କରନ୍ତି ।
ମୋଟ ୭୪୨ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ୬ ଇଞ୍ଚ ଅଟେ ।ଏହି ରଥରେ ୧୬ ଟି ଚକ (ବିଷ୍ଣୁସିଦ୍ଧ, ବିଭୂତି, ଅଣିମା, ପ୍ରଜ୍ଞା, ଧୀ, ଜ୍ଞାନ, ପ୍ରେମ, ଆଶକ୍ତ, ରତି, କେଳି, ସତ୍ୟ, ସୁଷ୍ଵସ୍ତି, ଜାଗୃତି, ତୁରୀୟ, ଆମ, ନିର୍ବାଣ) ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ।
ସାରଥି : ମାତଳୀ , ରଥର ଦଉଡ଼ି : ଶଙ୍ଖଚୂଡ଼
ପରମ୍ପରା ମୁତାବକ ଧଳାରଙ୍ଗର ଚାରୋଟି ଘୋଡ଼ା (ଶଙ୍ଖ, ବଳାହକ, ଶ୍ଵେତ ଓ ହରିଦ୍ଵାଶ) ସ୍ଥାପନ କରାଯାଏ ।ଏହାର ପତାକା ଗରୁଡ଼ ଚିହ୍ନାଙ୍କିତ ।
ଧ୍ଵଜପମୂର୍ତ୍ତି: ପଞ୍ଚମୁଖୀ ହନୁମାନ ।
ନାଲି ଓ ହଳଦିଆ ରଙ୍ଗର କପଡ଼ା ରେ ରଥାବରଣ କରାଯାଏ । ନନ୍ଦିଘୋଷରେ ହରିହର, ପଣ୍ଡୁ ନୃସିଂହ, ଗିରିଧର, ଷଡ଼ଭୁଜ ଚିନ୍ତାମଣି କୃଷ୍ଣ, ଚତୁର୍ଭୁଜ ନାରାୟଣ, ସପ୍ତଫେଣ ସର୍ପରେ ଆସୀନ ମଧୁସୂଦନ ବା ବିଷ୍ଣୁ, ଲକ୍ଷ୍ମଣ, ପଞ୍ଚମୁଖୀ ମହାବୀର ପାର୍ଶ୍ଵଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।
● ‘ତାଳଧ୍ଵଜ’ ବା ‘ଲଙ୍ଗଳ ଧ୍ଵଜ’ ରଥରେ ବଳଭଦ୍ରଙ୍କ ସହ ରାମକୃଷ୍ଣ ବିଜେ କରନ୍ତି। ମୋଟ ୭୩୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୫ଫୁଟ ଅଟେ । ଏହି ରଥରେ ୧୪ ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୬ ଇଞ୍ଚ।
ଦଧିନଉତି : ହିରଣ୍ମୟୀ ଓ ସାରଥି : ଦାରୁକ ।
ରଥର ଦଉଡ଼ି : ବାସୁକୀ ।
ପରମ୍ପରା ମୁତାବକ କଳା ରଙ୍ଗର ଚାରୋଟି ଘୋଡ଼ା ଘୋଡ଼ା (ଶଙ୍ଖ, ସୁଚିତ୍ର, ଅଙ୍ଗଦ, ମେଘନାଦ) ସ୍ଥାପନ କରାଯାଏ ।
ଧ୍ଵଜପମୂର୍ତ୍ତି : ଲକ୍ଷ୍ମୀନୃସିଂହ ।
ନାଲି ଓ ସବୁଜ ରଙ୍ଗର କପଡ଼ା ରେ ରଥାବରଣ କରାଯାଏ । ତାଳଧ୍ୱଜ ରଥରେ ମହାଦେବ, ବାଇଶିଭୁଜ ନୃସିଂହ, ବଳରାମ, ନୃତ୍ୟ ଗଣପତି, ଲକ୍ଷ୍ମଣଙ୍କୁ ବହନ କରିଥିବା ଅଙ୍ଗଦ, ନାଟାମ୍ବର (ବୃଷଭ ଉପରେ ନୃତ୍ୟରତ ଶିବ), କାର୍ତ୍ତିକେଶ୍ଵର, ମଧୁକୈଟବଙ୍କ ସହ ବିଷ୍ଣୁଙ୍କ ଯୁଦ୍ଧ, ଅନନ୍ତବାସୁଦେବ ପାର୍ଶ୍ଵବଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।
● ‘ଦର୍ପଦଳନ’ ବା ‘ପଦ୍ମଧ୍ଵଜ’ ବା ‘ଦେବଦଳନ’ ରଥରେ ସୁଭଦ୍ରାଙ୍କ ସହ ଶ୍ରୀସୁଦର୍ଶନ ବିଜେ କରନ୍ତି । ମୋଟ ୭୧୧ଖଣ୍ଡ କାଠରେ ତିଆରି ଏହି ରଥର ଉଚ୍ଚତା ୪୪ଫୁଟ ୬ ଇଞ୍ଚ ଅଟେ ।ଏହି ରଥରେ ୧୨ ଟି ଚକ ସଂଯୁକ୍ତ ହୋଇଥାଏ । ପ୍ରତ୍ୟେକ ଚକର ଉଚ୍ଚତା ୬ ଫୁଟ ୮ ଇଞ୍ଚ ।
ସାରଥି : ଅର୍ଜୁନ ଓ ରଥର ଦଉଡ଼ି : ସ୍ଵର୍ଣ୍ଣଚୂଡ଼ ।
ଧ୍ଵଜପମୂର୍ତ୍ତି : ଜୟଦୁର୍ଗା ।
ପରମ୍ପରା ମୁତାବକ ନାଲି ଚାରୋଟି ଘୋଡ଼ା (ରୋଚିକା, ମୋଚିକା, ଜିତା, ଅପରାଜିତା) ସ୍ଥାପନ କରାଯାଏ । ନାଲି ଓ କଳା ରଙ୍ଗର କପଡ଼ା ରେ ରଥାବରଣ କରାଯାଏ । ଦର୍ପଦଳନରେ ବିମଳା, ମଙ୍ଗଳା, ବାରାହୀ, ଭଦ୍ରକାଳୀ(ଶବରୂଢ଼ା ଚତୁର୍ଭୁଜା), ବନଦୁର୍ଗା ବା କଣ୍ଟକାଢ଼ି, କାତ୍ୟାୟନୀ (ଅଷ୍ଟଭୁଜା ଦୁର୍ଗା), ହରଚଣ୍ଡୀ, ରାମଚଣ୍ଡୀ (ଅଷ୍ଟଭୁଜା ଓ ବାମହାତ କାଣି ଆଙ୍ଗୁଠିକୁ ପାଟିରେ ଚୁଚୁମିଛନ୍ତି), ଅଘୋରା ପାର୍ଶ୍ଵଦେବ/ଦେବୀ ଭାବେ ଅବସ୍ଥାନ କରିଥାନ୍ତି ।
ରଥ ନିର୍ମାଣରେ ନିୟୋଜିତ ସେବକବୃନ୍ଦ ମଧ୍ୟରେ
ବଢେଇ ମହାରଣା ଅନ୍ୟତମ ଏହି ସେବକମାନଙ୍କ ମଧ୍ୟରେ ସୁତାର, ତଳି ମହାରଣା, ମହାରଣା, ରଥ ଅମିନ ରଥ ନିର୍ମାଣରେ ସଂମ୍ପୃକ୍ତ ରହି କାର୍ଯ୍ୟ କରିଥାନ୍ତି । ରଥ ନିର୍ମାଣ ଅନୁକୂଳ ଠାରୁ ବାହୁଡା ଯାତ୍ରା ଶେଷ ଯାଏଁ ମହାରଣା ସେବକମାନେ ରଥ ନିର୍ମାଣ, ରଥଟଣା ଇତ୍ୟାଦି କାର୍ଯ୍ୟରେ ନିଯୋଜିତ ରହିଥାନ୍ତି । ୩୪ଗୋଟି ଅଙ୍ଗ ବିଶିଷ୍ଟ ତିନୋଟି ରଥର ନିର୍ମାଣ ନିମନ୍ତେ ପ୍ରତ୍ୟେକ ରଥରେ ଜଣେ ଲେଖାଏଁ ମୁଖ୍ୟ ମହାରଣାଙ୍କ ତତ୍ତ୍ଵାବଧାନରେ ଜଣେ ଲେଖାଏଁ ସୁତାର ମହାରଣା, ତଳି ମହାରଣା ନିୟୋଜିତ ହୋଇ କାର୍ଯ୍ୟ କରିଥାନ୍ତି । ଏତଦବ୍ୟତୀତ ରଥ କାଠର ମାପଚୁପ ଦେଖିବା ପାଇଁ ଜଣେ ରଥ ଅମୀନ ମଧ୍ୟ ରହନ୍ତି ।
ଅନ୍ୟ ଏକ ସେବକ ଓଝା ମହାରଣା , ପ୍ରତି ବର୍ଷ ରଥ ନିର୍ମାଣ ସମୟରେ ତିନି ରଥରେ ବ୍ୟବହୃତ ହେଉଥିବା ସମସ୍ତ ଲୁହାକଣ୍ଟା, ବଳା,ପନ୍ଦାରି ଯୋଗାଇବା ବ୍ୟତୀତ ରଥଯାତ୍ରା ପୂର୍ବ ଦିନ ରଥ ଖଳାରୁ ସିଂହଦ୍ଵାରକୁ ରଥ ବିଜେ କରିବା ସମୟରେ ରଥ ଉପରେ ଏହି ସେବକ ଚାନ୍ଦୁଆ ବାନ୍ଧିଥାନ୍ତି । ଅକ୍ଷୟ ତୃତୀୟା ଠାରୁ ପରମ୍ପରା ଅନୁଯାୟୀ ଓଝା ମହାରଣା ସେବକମାନେ ଶାଢୀ଼ ବନ୍ଧାଇ ଏବଂ ପ୍ରଶାସନ ପକ୍ଷରୁ ପ୍ରଦତ୍ତ ମହାପ୍ରସାଦ ଓ ନଡ଼ିଆ ଗ୍ରହଣ କରି ଦୋଳବେଦୀଠାରେ ଶାଳ ଅନୁକୂଳ କରିଥାନ୍ତି । ଅକ୍ଷୟ ତୃତୀୟା ଦିନ ରଥ ନିର୍ମାଣର ଅନୁକୂଳ ସମୟରେ ଏହି ସେବକ ତିନୋଟି ଟାଙ୍ଗିଆ ମଧ୍ୟ ଯୋଗାଇଥାନ୍ତି । ଏହାର ଦୁଇ ତିନିଦିନ ପରେ ଦୋଳବେଦୀଠାରେ କାର୍ଯ୍ୟ ଆରମ୍ଭ ହୋଇ ଭଉଁରୀ ଦିନ ପନ୍ଦାରି, ଜୋକିଆ, ହୁକର ମଧ୍ୟ ଅନୁକୂଳ କରାଯାଇଥାଏ । ଏହି ସବୁ କାର୍ଯ୍ୟ ଦୋଳବେଦୀ କୁଞ୍ଜ ଭିତରେ ହୋଇଥାଏ । ପ୍ରତି ଦିନ ମୋଟ ୧୮ ଜଣ ଓଝା ମହାରଣା ଓ ତାଙ୍କୁ ଏହି କାର୍ଯ୍ୟରେ ସାହାଯ୍ୟ କରୁଥିବା ଶ୍ରମିକ ନିୟୋଜିତ ହୋଇଥାଏ । ନିଜ ନିଜ ରଥର ବାଡ଼ଗ୍ରାହୀ ଓଝା ମହାରଣାମାନଙ୍କ ତତ୍ତ୍ଵାବଧାନରେ ପ୍ରତି ଚକ ପାଇଁ ଅରକଣ୍ଟା ୩୨ଟା, ପନ୍ଦାରି ୨ଟା ଓ ୨ଟି ଲେଖାଏଁ ବଳା ନିର୍ମାଣ କରାଯାଇ ରଥଖଳାକୁ ଯୋଗାଯାଇଥାଏ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଦତ୍ତ ଲୁହା ରଡ଼୍ ଓ ପ୍ଲେଟରେ ଓଝା ମହାରଣା ସେବକମାନେ ପ୍ରତିରଥର ଅଖ ଓ ଦଣ୍ଡାରେ କଣ୍ଡା ଲଗାଯିବା ଉଦ୍ଦେଶ୍ୟରେ ଯଥାକ୍ରମେ ନନ୍ଦିଘୋଷ ରଥ ପାଇଁ ୧୦ ଗଣ୍ଡା, ତାଳଧ୍ଵଜ ରଥ ପାଇଁ ୯ ଗଣ୍ଡା ୨ଟା ଓ ଦେବଦଳ୍ନ ରଥ ପାଇଁ ୭ ଗଣ୍ଡା ୨ଟା ବିଡିଆ କଣ୍ଟା ଶାଳ ପ୍ରସ୍ତୁତ କରିଥାନ୍ତି । ଏତଦବ୍ୟତୀତ ପାରାଭାଡ଼ି ନିର୍ମାଣ ସମୟରେ ପୋଟଳ ଉପରେ ବାଗିଆ ବାଡେଇଥାନ୍ତି । ଅନ୍ୟାନ୍ୟ ଲୁହାରେ ନିର୍ମିତ କଣ୍ଟା ମଧ୍ୟରେ ତାଗକଣ୍ଟା, ତାର ପରିଚ୍ଛା କଣ୍ଟା, ଦୁଆର ବେଢା଼ କଣ୍ଟା, ବେଢା଼ କଣ୍ଟା, ଜଙ୍ଘା ଓ ନାରାଜ କଣ୍ଟା, ଗୋଡି଼ଛାଲ ଇତ୍ୟାଦି ବିଭିନ୍ନ କିସମର କଣ୍ଟା ଏକ ସ୍ଵତନ୍ତ୍ର ଶୈଳୀରେ ଓଝା ମହାରଣାଙ୍କ ଦ୍ଵାରା ନିର୍ମିତ ହୋଇଥାଏ । ପ୍ରତି ବର୍ଷ ପ୍ରଶାସନ ପକ୍ଷରୁ ଓଝା ମହାରଣାଙ୍କୁ ଏକ ନିର୍ଦ୍ଦିଷ୍ଟ ପରିମାଣର ଅର୍ଥ ପାରିଶ୍ରମିକ ରୂପେ ପ୍ରଦାନ କରାଯାଇଥାଏ । ରଥଯାତ୍ରା ସମୟରେ ଯଦି ଚକ କିମ୍ବା ଅନ୍ୟାନ୍ୟ ମରାମତି କାର୍ଯ୍ୟ ଆବଶ୍ୟକ ପଡେ, ଓଝା ମହାରଣା ମନେ ଆବଶ୍ୟକୀୟ ଲୁହା କଣ୍ଟା ଓ କ୍ଲାମ୍ପ ଇତ୍ୟାଦି ଜରୁରୀକାଳୀନ ଭାବେ ନିର୍ମିତ କରି ଯୋଗାଇଥାନ୍ତି । ଏତଦବ୍ୟତୀତ ଅଣସର ସମୟରେ ଅଣସର ଗୃହକୁ ଯିବା ନିମନ୍ତେ ସହସ୍ର (ଲୁହାରେ ନିର୍ମିତ ଏକ ଅସ୍ତ୍ର) ନିର୍ମିତ କରି ପତନି ଶାଢୀ଼ରେ ବାନ୍ଧି ଦଇତାପତିଙ୍କ ଜିମାରେ ଦେଇଥାନ୍ତି । ଏହି କାର୍ଯ୍ୟ ହେଲା ବେଳେ ଓଝା ମହରଣାମାନେ ହବିଷାନ୍ନ କରି ଅତ୍ୟନ୍ତ ନିୟମ ନିଷ୍ଠାର ସହିତ ରହିଥାନ୍ତି ।
ଆହୁରି ଅନ୍ୟାନ୍ୟ ସେବକ ମାନେ ହେଲେ: ଭୋଇ ସେବକ , ଦରଜୀ ସେବକ , ତାମରା ବିଶୋଇ ,କରତିଆ , ରୂପକାର ଓ ଚିତ୍ରକାର ।
ଶ୍ରୀଜୀଉମାନଙ୍କୁ ରଥାରୂଢ଼ କରିବାପାଇଁ ଦଇତାପତି ସେବକମାନେ ଦଳବଦ୍ଧ ଭାବରେ ନିଜ ଭିତରେ ସମନ୍ଵୟ ରଖି ବିଗ୍ରହ ମାନଙ୍କୁ ନଚେଇ ନଚେଇ, ଝୁଲେଇ ଝୁଲେଇ ନେଇଥାନ୍ତି, ଯାହାକୁ ମନ୍ଦିର ଭାଷାରେ ପହଣ୍ଡି କୁହାଯାଏ । ଏହି ପହଣ୍ଡି ଦୁଇପ୍ରକାର ଯଥା:
ଧାଡ଼ି ପହଣ୍ଡି ଓ ଗୋଟି ପହଣ୍ଡି ।
ଧାଡି଼ ପହଣ୍ଡିରେ ଠାକୁରମାନେ ଜଣକ ପରେ ଜଣେ ଏକକାଳୀନ ବିଜେ କରି ରଥାରୂଢ଼ ହୁଅନ୍ତି ।ରତ୍ନବେଦୀରୁ ଶ୍ରୀଜୀଉମାନେ ଗଲାବେଳେ ଧାଡ଼ି ପହଣ୍ଡିରେ ବିଜେ କରିଥାନ୍ତି ।
ଗୋଟି ପହଣ୍ଡିରେ ଏକ ବିଗ୍ରହ ବିଜେ ହୋଇ ଉଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପରେ ଅନ୍ୟ ବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଥାଏ ।ରତ୍ନବେଦୀକୁ ବାହୁଡ଼ିବା ବେଳେ ଶ୍ରୀଜୀଉମାନେ ଗୋଟି ପହଣ୍ଡିରେ ବିଜେ କରିଥାନ୍ତି ।
ସୁଦର୍ଶନ ଓ ସୁଭଦ୍ରା ଦଇତାପତିମାନଙ୍କ ହସ୍ତ ଓ ସ୍କନ୍ଧାବଲମ୍ବନ ପୂର୍ବକ ପହଣ୍ଡି ବିଜେ ହୋଇ ରଥାରୋହଣ କରିଥିବା ବେଳେ ଜଗନ୍ନାଥ ଓ ବଳଭଦ୍ରଙ୍କୁ ଦଇତାପତି ଓ ଅନ୍ୟାନ୍ୟ ସେବକମାନେ ପାଟ ଡୋରିରେ ବା ରଜ୍ଜୁ ଦ୍ଵାରା ଆକର୍ଷଣ କରି ଧିରେ ଧିରେ ପହଣ୍ଡି ବିଜେ କରାଇଥାନ୍ତି । ଶ୍ରୀବିଗ୍ରହମାନଙ୍କ ପବିତ୍ର ପହଣ୍ଡି ବିଜେ ସମୟରେ ପ୍ରଥମେ ବିଜେ କାହାଳି ବାଜିବା ପରେ ଘଣ୍ଟୁଆ , କାହାଳିଆ, ବଜନ୍ତରୀ, ଓଲାର, ଛତାର ପ୍ରମୁଖ ସେବକମାନଙ୍କ ଉପସ୍ଥିତିରେ ଘଣ୍ଟ ଓ ବାଦ୍ୟ ଆଦି ତାଳ ସହକାରେ ବଜେ । ଭକ୍ତ ତଥା ଦର୍ଶନାର୍ଥୀମାନେ ଏହି ସମୟରେ ପୁଷ୍ପବର୍ଷଣ କରିବା ସଙ୍ଗେ ସଙ୍ଗେ ହରିବୋଲ ଓ ହୁଳହୁଳିର ପବିତ୍ର ଧ୍ଵନିରେ ସମଗ୍ର ପରିବେଶକୁ ଆନନ୍ଦିତ ମୁଖରିତ କରିଥାନ୍ତି । ପହଣ୍ଡି ସମୟରେ ପଣ୍ଡା, ପୁଷ୍ପାଳକ ଓ ଅନ୍ୟନ୍ୟ ସେବକମାନେ ଡୋରି ଧରିଥାନ୍ତି । ଛାମୁ ଖୁଣ୍ଟିଆ, ବେହେରା ଖୁଣ୍ଟିଆ, ସେବକ ପହଣ୍ଡି ତଥା ଠାକୁରମାନଙ୍କ ଆଗରେ ବେତ ଧରି ମଣିମା, ଶ୍ରୀଅଙ୍ଗକୁ ସାବଧାନ ବୋଲି ଉଚ୍ଚାରଣ କରି ଠାକୁରମାନଙ୍କ ଆଗେ ଆଗେ ଯୋଡି଼ ବେତ ବାଡେଇ ବାଡେଇ ଚାଲିଥାନ୍ତି ।
ଶ୍ରୀଗୁଣ୍ଡିଚା ଯାତ୍ରା ଓ ବାହୁଡା଼ ଯାତ୍ରାର ଅନ୍ୟତମ ମୁଖ୍ୟ ଆକର୍ଷଣ ହେଉଛି ପୁରୀ ଗଜପତି ମହାରାଜାଙ୍କ ତିନି ରଥ ଉପରେ ଛେରାପହଁରା ସେବା । ଏହି ଛେରାପହଁରା ନୀତିକୁ ଦେଖିବା ଲାଗି ଉଭୟ ସିଂହଦ୍ଵାର ଓ ଗୁଣ୍ଡିଚା ମନ୍ଦିରଠାରେ ଲକ୍ଷାଧିକ ଭକ୍ତ ତଥା ଜନସାଧାରଣଙ୍କ ସମାଗମ ହୋଇଥାଏ । କେତେକ ଐତିହାସିକ, ପ୍ରାବନ୍ଧିକ ଏବଂ ଗବେଷକମାନଙ୍କ ମତରେ ସୂର୍ଯ୍ୟବଂଶୀ ରାଜା କପିଳେନ୍ଦ୍ର ଦେବଙ୍କ ସମୟରେ ଏହି ଛେରା ପହଁରା ନୀତି ଆରମ୍ଭ ହୋଇଥିଲା । ରଥଯାତ୍ରା ଦିନ ଗଜପତି ମହାରଜ ମନ୍ଦିର ଆଗରେ ଥିବା ପାହାଚକୁ ସୁନାର ପହଁରାରେ ଓଳାନ୍ତି । ଗଜପତି ଦିବ୍ୟସିଂହ ଦେବଙ୍କ ପର୍ଯ୍ୟନ୍ତ ଠାକୁରମାନଙ୍କ ପହଣ୍ଡି ବେଳେ ଶ୍ରୀମନ୍ଦିର ଆଗରେ ପାହଚ ଓ ରାସ୍ତକୁ ସୁନା ଖଡି଼କାରେ ଓଳାଇବା ବିଧି ବଳବତ୍ତର ଥିଲା । ମାତ୍ର ତାଙ୍କ ରୁଗ୍ଣ ପୁତ୍ର ରାଜା ମୁକୁନ୍ଦ ଦେବଙ୍କ ସମୟରେ ରଥ ଉପରର ଚତୁଃପାର୍ଶ୍ଵ ଛେରା ପହଁରାର ନୂତନ ବିଧି ବିଧାନ ହୋଇଥିଲା ଏବଂ ଏହି ପ୍ରଥା ଅଦ୍ୟାବଧି ଅନୁସୃତ ହୋଇ ଆସୁଅଛି ।
ଛେରା ଓ ପହଁରା ଦୁଇଟି ଶବ୍ଦର ସମ୍ମିଶ୍ରଣରେ ଛେରା ପହଁରାର ସୃଷ୍ଟି । ଛେରା ଶବ୍ଦର ଅର୍ଥ ତରତଳା, ଯାହାକି ବହଳିଆ ଘୋରା ଚନ୍ଦନ ଓ ପହଁରା ଶବ୍ଦର ଅର୍ଥ ଓଳାଇବା । ଗଜପତି ମହାରାଜାଙ୍କ ଛେରା ପହଁରା ନୀତି ମଧ୍ୟରେ ମୁଖ୍ୟତଃ ଦର୍ଶନ,ରାଜନୀତି, ବନ୍ଦାପନା, କର୍ପୂର ବର୍ତ୍ତକ, ଚାମର, ଆଲଟ ସେବା, ପୟମାଳା ଗ୍ରହଣ ଆଦି ଅନ୍ତର୍ଭୁକ୍ତ । ସର୍ବପ୍ରଥମେ ବଳଭଦ୍ରଙ୍କ ରଥରେ ଛେରା ପହଁରା କରାଯାଏ, ପରେ ଦେବୀ ସୁଭଦ୍ରାଙ୍କ ରଥରେ ଓ ସର୍ବଶେଷରେ ଜଗନ୍ନାଥଙ୍କ ରଥରେ ଛେରା ପହଁରା କରାଯାଏ । ଛେରା ପହଁରା କରିବା ଅବସରରେ ଭଣ୍ଡାର ମେକପ ରଥର ଚାରି ପାଖରେ ବୁଲି ଶୁକ୍ଳ ଫୁଲ ଆଗରେ ପକାଉଥାନ୍ତି ଓ ଗଜପତି ମହାରାଜା ସୁନା ଖଡିକା ଧରି ରଥ ଚାରି ପାଖେ ପହଁରା କାର୍ଯ୍ୟ କରିଥାନ୍ତି । ଏହା ପରେ ଘଟୁଆରୀ ପ୍ରଦତ୍ତ ରୂପା ପିଙ୍ଗଣରେ ଥିବା ଚନ୍ଦନ ପାଣିକୁ ରାଜଗୁରୁ ସଂସ୍କାର କରିବାପରେ ଭଣ୍ଡାର ମେକପ ଗଜପତିଙ୍କ ହସ୍ତକୁ ବଢାଇଥାନ୍ତି । ତତ୍ପରେ ଗଜପତି ଚନ୍ଦନପାଣି ରଥ ଚାରିପଟରେ ଛିଞ୍ଚିଥାନ୍ତି । ଶ୍ରୀମନ୍ଦିର ସ୍ୱତ୍ତ୍ଵଲିପି ତଥା ପରମ୍ପରା ଅନୁଯାୟୀ ଗଜପତି ମହାରାଜାଙ୍କ ଅନୁପସ୍ଥିତିରେ ଛେରା ପହଁରା ସେବା ମୁଦିରଥ ସେବକ କରିଥାନ୍ତି । ଏପରିକି ଅତୀତରେ ବହୁବର୍ଷ ଧରି ମୁଦିରଥ ସେବକ ଛେରା ପହଁରା ସେବା କରିଥିବାର ପ୍ରମାଣ ରହିଛି । ଏହି ଛେରା ପହଁରା ବାହୁଡ଼ାଯାତ୍ରା ବ୍ୟତୀତ ଦୋଳଦେବୀରେ, ସ୍ନାନବେଦୀରେ ଓ ଚାପ ଉପରେ କରାଯାଇଥାଏ ।
ପରମ୍ପରା ଅନୁଯାୟୀ ତିନି ରଥ ଉପରେ ଗଜପତି ମହାରାଜାଙ୍କ ଛେରା ପହଁରା ନୀତି ସରିବା ପରେ ରଥରୁ ଚାରମାର(ତାଳ ଓ ନଡିଆ ଗଛ କାଠରେ ଚାରମାର ପ୍ରସ୍ତୁତ ହୋଇଥାଏ) ଭୋଇ ସେବକମାନଙ୍କ ସହାୟତାରେ ଖୋଲା ଯାଇଥାଏ । ତତ୍ପରେ ସାରଥୀ ଓ ଅଶ୍ଵଙ୍କୁ ଆରୋହଣ ପୂର୍ବକୁ ରୂପକାର ସେବକମାନେ ଅଶ୍ଵମାନଙ୍କୁ ରଥ ଦଉଡି଼ ଦ୍ଵାରା ବାନ୍ଧିଥାନ୍ତି । ଏହା ପରେ ସ୍ଵତନ୍ତ୍ର ଶୈଳୀରେ ନିର୍ମିତ ରଥ ଦଉଡ଼ିକୁ ରଥରେ ଲଗାଯାଇଥାଏ । ପ୍ରତି ରଥରେ ୪ଟି ଲେଖାଏଁ ଦଉଡି଼ ବନ୍ଧା ଯାଇଥାଏ ।
ସର୍ବପ୍ରଥମେ ବଳଭଦ୍ର ମହାପ୍ରଭୁଙ୍କ ତାଳଧ୍ଵଜ ରଥ ଟଣାଯାଏ । ସମତାଳରେ ଉଭୟ ଭଟିମୁଣ୍ଡା ଓ ପୁରୀ ଘଣ୍ଟୁଆମାନେ ଏହି ସମୟରେ ଘଣ୍ଟ ବଜାଇଥାନ୍ତି । ଡାହୁକ ରଥ ଉପରେ ଠିଆ ହୋଇ ଯୋଡ଼ି ଲମ୍ବା ବେତ ଧରି ରଥ ବୋଲି ଗୀତ ଗାଇ ଭକ୍ତଜନଙ୍କୁ ଆମୋଦିତ କରିଥାନ୍ତି । ସର୍ବ ଧର୍ମ ନିର୍ବିଶେଷରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଭକ୍ତ ରଥ ଦଉଡ଼ି ଧାରଣ ପୂର୍ବକ ଆନନ୍ଦ ମନରେ ରଥକୁ ଟାଣିଥାନ୍ତି । ଭକ୍ତମାନଙ୍କ ହରିବୋଲ, ହୁଳହୁଳି, ସଂକୀର୍ତ୍ତନ ଇତ୍ୟାଦିରେ ସମଗ୍ର ବଡ଼ଦାଣ୍ଡ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥାଏ। ତାଳଧ୍ଵଜ ରଥ ପରେ ଦେବୀ ସୁଭଦ୍ରାଙ୍କ ଦେବଦଳନ ଓ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇଥାଏ । ପରମ୍ପରା ଅନୁଯାୟୀ ବଡ଼ଦାଣ୍ଡରେ ଅବସ୍ଥିତ ମାଉସୀ ମା’ ମନ୍ଦିରଠାରେ ଠାକୁରମାନେ ପୋଡ଼ ପିଠା ଭୋଗ ଲାଗିଥାଏ ।
ରଥଯାତ୍ରା ସମୟରେ ପୁରୀରେ ଅବସ୍ଥିତ ଥିବା ଅନେକ ମଠର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥାଏ । ସେହି ମଠଗୁଡ଼ିକ ହେଲେ ;
ରାଘବ ଦାସ ମଠ ,ଗୋବର୍ଦ୍ଧନ ମଠ ,ଶଙ୍କରାନନ୍ଦ ମଠ ,ଜଗନ୍ନାଥବଲ୍ଲଭ ମଠ, ଜଟିଆ ବାବାଜୀ ମଠ ,ବଡ଼ ଓଡ଼ିଆ ମଠ, ଛାଉଣୀ ମଠ ,ମହୀପ୍ରକାଶ ମଠ,ଶ୍ରୀରାମ ଦାସ ମଠ,ଏମାର ମଠ , ନେବଳ ଦାସ ମଠ ଓ ଗଙ୍ଗାମାତା ମଠ ।
ମାଉସୀ ଘରେ ସାତ ଦିନ ରହିବା ପରେ ପୁଣି ଥରେ ଶ୍ରୀଜୀଉମାନେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରନ୍ତି, ଏହାକୁ ବାହୁଡ଼ା ଯାତ୍ରା କୁହାଯାଏ । ଏବଂ ପରେ ନିଳାଦ୍ରିବିଜେ ହୋଇ ରଥଯାତ୍ରା ସମାପନ ହୋଇଥାଏ।
No comments:
Post a Comment