●•ସସେମିରା କଥା•● (ପୂର୍ଣ୍ଣଚନ୍ଦ୍ର ଭାଷାକୋଷ)
ଦିନେ ଭୋଜରାଜଙ୍କ ପୁତ୍ର ପାରିଧୀ କରିଵାକୁ ଯାଇଥିଲେ କିନ୍ତୁ ନଅରକୁ ଫେରି ନ ଆସି ରାତ୍ରହେଵାରୁ ନିଵିଡ଼ ଅରଣ୍ୟ ମଧ୍ୟରେ ଅଗତ୍ୟା ରହିଗଲେ ।
ରାତି ହୋଇଯିଵାରୁ ଜଙ୍ଗଲର ବିଭିନ୍ନ ହିଂସ୍ରଜନ୍ତୁଙ୍କ ଠାରୁ ରକ୍ଷା ପାଇଵା ହେତୁ ସେ ଏକ ଭାଲୁ ସହ ମିତ୍ରତା କଲେ । ରାଜପୁତ୍ର ଓ ଭାଲୁ ଦୁହେଁ ଗୋଟିଏ ଗଛ ଉପରେ ଚଢ଼ି ରାତ୍ରୀଯାପନ କଲେ ।
ରାତ୍ରୀର ପ୍ରଥମ ଅଂଶରେ ଭାଲୁ ତା ଗୋଡ଼କୁ ଲମ୍ଵେଇ ଗଛଡାଳରେ ବସିଲା ଓ ରାଜପୁତ୍ର ଭାଲୁର କୋଳରେ ସୁଖନିଦ୍ରା ଗଲେ । ଏହି ସମୟରେ ଗଛ ତଳକୁ ବାଘ ଆସି ଭାଲୁକୁ ଵିନତି କରି କହିଲା…
“ତୁ ଗୋଡ଼କୁ ଖସାଇ ଦେ;ରାଜପୁତ୍ର ତଳକୁ ପଡି଼ଗଲେ ମୁଁ ତାକୁ ଖାଇବି”
କିନ୍ତୁ ଭାଲୁ କହିଲା;
“ରାଜପୁତ୍ର ମୋର ମିତ୍ର,ମୁଁ ମିତ୍ରଦ୍ରୋହ କରିବି ନାହିଁ”
ଏହା ଶୁଣି ବାଘ ଫେରିଗଲା ହେଲେ ଗଲାବେଳେ କହିଗଲା
“ଆରେ ଦୁଇଗୋଡି଼ଆ(ମଣିଷ)ଙ୍କୁ ଭରସା ନାହିଁ”
ରାତ୍ରୀର ଶେଷାଂଶକୁ ରାଜପୁତ୍ର ଚେଇଁଵ ଓ ଭାଲୁ ଶୋଇଵ,ଏହିପରି କଥା ଆଗରୁ ଠିକ୍ ହୋଇଥିଵାରୁ ରାଜପୁତ୍ର ନିଦରୁ ଉଠି ଗଛ ଉପରେ ଗୋଡ଼ ଲମ୍ବାଇ ବସିଲା ଏଵଂ ଭାଲୁ ତା’ କୋଳରେ ଶୋଇଲା ।
କିନ୍ତୁ ବାଘର ପୂର୍ଵ କଥିତ ଉପଦେଶ ମନେରଖି ରାଜପୁତ୍ରର ଅଜ୍ଞାତସାରରେ ଆପଣା ନଖକୁ ଗଛ କୋରଡ଼ରେ ବିଦ୍ଧ କରିଦେଇଥାଏ ।
ପାହାନ୍ତା ହେଲାବେଳକୁ ବାଘ ଆସି ରାଜାପୁଅକୁ କହିଲା
“ଆରେ ଭାଲୁ ଟା ହିଂସ୍ରଜନ୍ତୁ,ସେ ତୋତେ ଖାଇଯିଵ;ତୁ ଗୋଡ଼ ଛାଡି଼ ଦେ,ଭାଲୁ ଟା ଖସିପଡୁ଼,ମୁଁ ତାକୁ ଖାଇଯିବି !”
ରାଜାପୁଅ ଏକଥା ଶୁଣି ଗୋଡ଼ ଟା ଖସେଇ ଦେଲା ହେଲେ ଭାଲୁ ଆଗରୁ ଗଛ କୋରଡ଼ରେ ନଖ ବିଦ୍ଧ କରିଥିଵାରୁ ତଳେ ନପଡି଼ ଯାଇ ଅଳ୍ପକେ ଵର୍ତ୍ତିଗଲା ।
ସକାଳ ହେଲାରୁ ଭାଲୁ ରାଜପୁତ୍ର କୁ କହିଲା
“ତୁ ମିତ୍ରଦ୍ରୋହୀ ହେଲୁ କିନ୍ତୁ ମୁଁ ହେବି ନାହିଁ ସେଥିପାଇଁ ତୋତେ ପ୍ରାଣଦଣ୍ଡ ନଦେଇ ଛାଡ଼ି ଦେଉଛି”
ତହିଁପରେ ଭାଲୁ ରାଜପୁତ୍ର ଜିଭରେ ଚାରୋଟି ଅକ୍ଷର ଲେଖିଦେଲା
“ସ-ସେ-ମି-ରା”…
ତହୁଁ ରାଜପୁତ୍ର ପାଗଳ ହୋଇ ବୁଲିଲା…
ସେ ଖାଲି ସସେମିରା ସସେମିରା କହୁଥାଏ ।
କେତେଦିନ ପରେ ରାଜପୁତ୍ରର ସନ୍ଧାନ ପାଇ ଭୋଜରାଜ ତାକୁ ରାଜନଵରକୁ ଅଣାଇଲେ …
ହେଲେ ରାଜପୁତ୍ର ପ୍ରଗଳ୍ଭ ହୋଇଯାଇଥାଏ । ତାକୁ ଭଲ କରିଵା ପାଇଁ ବହୁଚେଷ୍ଟା କରି ଵିଫଳ ହେଲାରୁ ଶେଷରେ ରାଜା ଦେଶଯାକରେ ଘୋଷଣା କଲେ ଯେ କେହି ଯଦି ତାଙ୍କ ପୁତ୍ରକୁ ଭଲ କରିଦେଵ ତାକୁ ସେ ତାଙ୍କ ରାଜ୍ୟରୁ ଅର୍ଦ୍ଧେକ ଦେବେ…
ଏହାର ବହୁ ପୂର୍ଵରୁ ଭୋଜରାଜ ତାଙ୍କ ସ୍ତ୍ରୀଙ୍କର ଆବୃତ୍ତ ଅଙ୍ଗରେ ତିଳଚିହ୍ନ ଥିଵା ଵିଷୟକ କଥା କହିଥିଵାରୁ କାଳିଦାସଙ୍କୁ ସନ୍ଦେହ କରି ଭୋଜରାଜ ଦେଶାନ୍ତର ଦଣ୍ଡ ଦେଇଥିଲେ । କିନ୍ତୁ ଭୋଜରାଜଙ୍କ ମନ୍ତ୍ରୀ ଗୁପ୍ତରେ ତାଙ୍କ ଗୃହରେ କାଳିଦାସଙ୍କୁ ଆଶ୍ରୟ ଦେଇଥାନ୍ତି…
ରାଜାଙ୍କ ପୁତ୍ର ଅସୁସ୍ଥ ହେଵା ତଥା ରାଜାଙ୍କ ଘୋଷଣା କଥା ଶୁଣି ମନ୍ତ୍ରୀଙ୍କୁ କାଳିଦାସ କହିଲେ ମୁଁ ନାରୀବେଶ ଧାରଣକରି ଆପଣଙ୍କ ସହିତ ନଅରକୁ ଯିବି ଆପଣ ରାଜାଙ୍କୁ କହିବେ ଏ ମୋର କନ୍ୟା ଏଵଂ ଇଏ ଆପଣଙ୍କ ପୁତ୍ର କୁ ଠିକ୍ କରିଦେଵ…
ତାହା ହିଁ ହେଲା …
ମନ୍ତ୍ରୀ ଜଣକ ସ୍ତ୍ରୀ ବେଶଧାରୀ ଅଵଗୁଣ୍ଠିତ କାଳିଦାସଙ୍କୁ ନେଇ ନଅର ପହଞ୍ଚିଲେ …
ରାଜା ସବୁ ଶୁଣି ଆଦେଶ ଦେଲାରୁ ଅଵଗୁଣ୍ଠିତ କାଳିଦାସ ରାଜପୁତ୍ର କାନରେ ‛ସସେମିରା’ର ଆଦ୍ୟ ଅକ୍ଷର ଵିଶିଷ୍ଟ ଚାରୋଟି ପୂର୍ଣ୍ଣାଵୟଵ ଶ୍ଳୋକ ବୋଲିଲେ ...
1.ସ→
●ସଦ୍ଭାବ ପ୍ରତିପନ୍ନାନାଂ ବଞ୍ଚନେ କା ଵିଦଗ୍ଧତା ।
ଅଙ୍କ ମାରୁହ୍ୟ ସୁପ୍ତାନାଂ ହନ୍ତୁଃ କିମ୍ ନାମ ପୌରୁଷମ୍ ।। ●
(ଯେଉଁ ମାନେ ଏକାନ୍ତ ଵିଶ୍ଵସ୍ତ,ସେମାନଙ୍କୁ ପ୍ରତାରଣା କରିଵା କି ପ୍ରକାରର ପାଣ୍ଡିତ୍ୟ ? ଯେଉଁ ମାନେ ଅଙ୍କକୁ ଆଶ୍ରୟ କରି ଶୋଇଥାଅନ୍ତି ତାଙ୍କୁ ମାରିଦେଲେ ହତ୍ୟାକାରୀର ପୌରୁଷ ପ୍ରକାଶ ପାଏ କି ?)
2.ସେ→
●ସେତୁଂଗତ୍ଵା ସମୁଦ୍ରସ୍ୟ ଗଙ୍ଗାସାଗରସଙ୍ଗମମ୍ ।
ବ୍ରହ୍ମହା ମୁଚ୍ୟତେ ପାପାତ୍ ମିତ୍ରଦ୍ରୋହୀ ନ ମୁଚ୍ୟତେ ।।●
(ସେତୁବନ୍ଧ ରାମେଶ୍ଵରକୁ ଗଲେ କି ଗଙ୍ଗା ସାଗରରେ ସ୍ନାନ କଲେ ବ୍ରହ୍ମହତ୍ୟା ପାପୀ ମୁକ୍ତ ହୋଇପାରେ କିନ୍ତୁ ମିତ୍ରଦ୍ରୋହୀ ମୁକ୍ତ ହୁଏ ନାହିଁ)
3.ମି→
●ମିତ୍ରଦ୍ରୋହୀ କୃତଘ୍ନଶ୍ଚ ଯେ ଚ ଵିଶ୍ଵାସଘାତକାଃ ।
ତେ ସର୍ଵେ ନରକଂ ଯାନ୍ତି ଯାଵଚ୍ଛନ୍ଦ୍ରଦିବାକରୌ ।।●
(ଯେଉଁମାନେ ମିତ୍ରଦ୍ରୋହୀ,କୃତଘ୍ନ ଓ ବିଶ୍ଵାସଘାତକ ସେମାନେ ସୂର୍ଯ୍ୟ ଚନ୍ଦ୍ର ଥିଲାଯାଏଁ ନରକଗାମୀ ହେଉଥିବେ)
4.ରା→
●ରାଜଂସ୍ତ୍ଵଂ ନିଜ ପୁତ୍ରସ୍ୟ ଯଦି କଲ୍ୟାଣମିଚ୍ଛସି ।
ଦେହି ଦାନଂ ଦ୍ବିଜାତିଭ୍ୟୋ ଦେଵତାରାଧନଂ କୁରୁ ।।●
(ହେ ରାଜନ୍ ଯେବେ ତୁମ୍ଭ ନିଜ ପୁତ୍ରର ମଙ୍ଗଳ ଇଛା କର ତେବେ (ମିତ୍ରଦ୍ରୋହୀ ପାପର ପ୍ରାୟଶ୍ଚିତ ସ୍ଵରୂପ)ବ୍ରାହ୍ମଣଙ୍କୁ ଦାନ ଦିଅ ଓ ଦେଵ ଆରାଧନା କର)
ରାଜପୁତ୍ର ,ସ୍ତ୍ରୀ ବେଶଧାରୀ କାଳିଦାସଙ୍କ ଠାରୁ ଚାରୋଟି ଅକ୍ଷରର ଚାବି ସ୍ଵରୂପ ଚାରୋଟି ଶ୍ଲୋକ ଶୁଣିଲା ମାତ୍ରକେ ତାହାର ବାତୁଳପଣ ଛାଡି଼ଗଲା । ତତ୍ ପରେ ସେ ଉକ୍ତ ଦିନ ଘଟିଥିଵା ଘଟଣାମାନ ଭୋଜରାଜଙ୍କୁ କହିବସିଲା…
ଭୋଜରାଜ ଏସବୁ ଶୁଣି ଆଶ୍ଚର୍ଯ୍ୟ ଚକିତ ହୋଇ ସ୍ତ୍ରୀ ବେଶଧାରୀ କାଳିଦାସଙ୍କୁ ଉପଲକ୍ଷ୍ୟ କରି ବୋଇଲେ
“ଗୃହେ ବସତି କୌମାରି ! ଅଟଵ୍ୟାଂ ନୈଵ ଗଚ୍ଛସିଋକ୍ଷଵ୍ୟାଘ୍ର ମନୁଷ୍ୟାଣାଂ କଥଂ ଜାନାସି ଭାଷିତଂ ।।
(ହେ କୁମାରୀ ! ତୁ ତ ଘରେ ରହୁ ଅଟଵ୍ୟା ଵା ଜଙ୍ଗଲ କୁ ଯାଉନାହିଁ ତେବେ ବାଘ ଭାଲୁ ମଣିଷ ମଧ୍ୟରେ ହୋଇଥିଵା କଥା ତୁ କେମନ୍ତେ ଜାଣିଲୁ?)
ଏ ଶ୍ଲୋକର ପ୍ରତ୍ୟୁତ୍ତରରେ ଅଵଗୁଣ୍ଠବାନ ସ୍ତ୍ରୀ ବେଶଧାରୀ କାଳିଦାସ କହିଲେ…
“ଦେଵଦ୍ବିଜ ପ୍ରସାଦେନ ଜିହ୍ଵାଗ୍ରେ ମେ ସରସ୍ଵତୀତେନାହଂ ନୃପ ! ଜାନାମି,ଭାନୁମତ୍ୟାସ୍ତିଳଂ ଯଥା ।।”
ଭୋଜରାଜା ଯେତେବେଳେ ଜାଣିଲେ ଯେ ସ୍ତ୍ରୀ ବେଶଧାରୀ ଵ୍ୟକ୍ତି ସ୍ବୟଂ କାଳିଦାସ ସେ ତାଙ୍କ ପ୍ରତି କରିଥିଵା ନିଜ ପୂର୍ଵ ଅନ୍ୟାୟ ପାଇଁ ପଶ୍ଚାତାପ କରିଵା ସହ କାଳିଦାସଙ୍କୁ କୃତଜ୍ଞତା ଜଣାଇ ବହୁ ରତ୍ନ ପ୍ରଦାନପୂର୍ଵକ ତାଙ୍କର ଭୁରି ଭୁରି ପ୍ରଶଂସା କରିଲେ |
ତଥ୍ୟ ପୂର୍ଣ୍ଣଚନ୍ଦ୍ର ଭାଷାକୋଷ
ଉପସ୍ଥାପନାରେ ; ✍ ଶିଶିର ସାହୁ ମନୋଜ
No comments:
Post a Comment